ସ୍ୱଚ୍ଛନ୍ଦ ବ୍ୟବସାୟ (Ease of Doing Business) ପାଇଁ ବିଶେଷ ସହାୟକ ହେବ – ମୁଖ୍ୟମନ୍ତ୍ରୀ

ଅନଲାଇନରେ ସବୁ ଶ୍ରମ ଆଇନ ଓ ୨୨ ପ୍ରକାର ସେବା ଉପଲବ୍ଧ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର ଅଂଶ ସ୍ୱରୂପ ରାଜ୍ୟ ଶ୍ରମ ଓ କର୍ମଚାରୀ ବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ କରିବା ସହିତ ୨୨ ପ୍ରକାର ଅନଲାଇନ ସେବାର ଶୁଭାରମ୍ଭ କରିଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫-ଟି କାର୍ଯ୍ୟକ୍ରମର ମୁଖ୍ୟ ଆଧାର ହେଉଛି ବୈଷୟିକ କୌଶଳ । ଏହା ହିଁ ପରିବର୍ତ୍ତନର ମାର୍ଗକୁ ଅଧିକ ସୁଗମ କରିଥାଏ।

ରାଜ୍ୟ ଶ୍ରମ ଓ ଇଏସଆଇ ବିଭାଗ ଦ୍ୱାରା ଆରମ୍ଭ କରାଯାଇଥିବା ପରିଶ୍ରମ ପୋର୍ଟାଲ ଓ ୨୨ ପ୍ରକାର ସେବା ସ୍ୱଚ୍ଛନ୍ଦ ବ୍ୟବସାୟ (Ease of Doing Business)  ପାଇଁ ବିଶେଷ ସହାୟକ ହେବ ଏବଂ ଏହା ସହିତ ରାଜ୍ୟରେ ସାମଗ୍ରିକ ଶିଳ୍ପ ଅଭିବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ପୋର୍ଟାଲରେ ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ଶ୍ରମ ଆଇନ ସମ୍ପର୍କରେ ସୂଚନା ଉପଲବ୍ଧ ହେବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ବିଭିନ୍ନ ଶିଳ୍ପସଂସ୍ଥାନ, ବ୍ୟବସାୟିକ ପ୍ରତିଷ୍ଠାନ, କ୍ଷୁଦ୍ର ଉଦ୍ୟୋଗୀ ଓ ଜନସାଧାରଣ ଉପକୃତ ହେବେ। ଆଗାମୀ ଦିନରେ ଏହି ପୋର୍ଟାଲରେ ୫୨ ପ୍ରକାର ସେବା ଉପଲବ୍ଧ। ଶ୍ରମ ଓ କର୍ମଚାରୀ ବୀମା ବିଭାଗର ଅଧିକାରୀ ଓ କର୍ମଚାରୀମାନେ ସେବା ମନୋବୃତ୍ତି ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସେବା ଗୁଡିକୁ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ସୁଶାନ୍ତ ସିଂ କହିଥିଲେ ଯେ, ଆଜିର ଏହି ନୂତନ ପୋର୍ଟାଲର ଉନ୍ମୋଚନ ଓ ଅନଲାଇନ ସେବା ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପିତ ଶିଳ୍ପସମୃଦ୍ଧ ଓଡିଶା ଗଠନରେ ସହାୟକ ହେବ। ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନାକୁ କାର୍ଯ୍ୟକାରୀ କରିବା ଦିଗରେ ବିଭାଗ ନିଷ୍ଫାର ସହ କାର୍ଯ୍ୟ କରୁଛି ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ, ବ୍ୟବସାୟିକ ପଦ୍ଧତିର ସରଳୀକରଣକୁ ପ୍ରୋତ୍ସାହିତ କରିବାପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ନୂଚନ ପୋର୍ଟାଲକୁ ପ୍ରସ୍ତୁତ କରାଯାଇଛି। ଆଜିର ଏହି ୨୨ଟି ଅନଲାଇନ ସେବା ରାଜ୍ୟର ଉଦ୍ୟୋଗୀମାନଙ୍କୁ ଅନଲାଇନ ଜରିଆରେ ପଞ୍ଜୀକରଣ ପ୍ରମାଣପତ୍ର, ଲାଇସେନ୍ସ, କାରଖାନାର ନୂତନ ନକସାର ଅନୁମୋଦନ, ଲାଇସେନସର ବଦଳିକରଣ, ବାଷ୍ପିତ୍ର ନିରୀକ୍ଷଣ ଓ ସାମୟିକ ନବୀକରଣ ଆଦି ଅନେକ ସୁବିଧା ମିଳିପାରିବ। ଏଥିସହିତ ପୋର୍ଟାଲରୁ ବିଭାଗ ଅଧିନସ୍ଥ ଶ୍ରମ ଆଇନ ସହିତ ଫର୍ମ, ବିଭିନ୍ନ ସେବା ନିମନ୍ତେ ଆବେଦନ ପ୍ରକ୍ରିୟା ଓ ପୈଠର ପରିମାଣ ସମ୍ପର୍କରେ ସୂଚନା ମିଳିପାରିବ।
ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ସଚିବ ଚିତ୍ରା ଅରମୁଗମ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ କମିଶନର ତିରୁମଲ୍ଲା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ପୋର୍ଟାଲ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ. ପାଣ୍ଡିଆନ, ଆ.ଟି ବିଭାଗର ସଚିବ ମନୋଜ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।