ପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର, ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ବ୍ରହ୍ମପୁର,ଏନ୍ଏନ୍ଏସ୍: ଗଞ୍ଜାମ ଜିଲ୍ଲା ଆଜି ଉତ୍ସବ ମୁଖରିତ। ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା’ ତାରାତାରିଣୀଙ୍କ ପୀଠରେ। ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡ ସ୍ଥିତ ମାଆଙ୍କ ଆସ୍ଥାନକୁ। ଗଞ୍ଜାମର ଆରାଧ୍ୟ ଦେବୀ ମାଆ ତାରାତାରିଣୀଙ୍କ ପୀଠର ଆଜି ହୋଇଛି କାୟାକଳ୍ପ। କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନୋରମ ମନ୍ଦିରର ଆଜି ପ୍ରତିଷ୍ଠା ଉତ୍ସବ ହୋଇଛି। ପବିତ୍ର ମନ୍ତ୍ରଧ୍ବନିର ଉଚ୍ଚାରଣ ତଥା ମଙ୍ଗଳ ବାଦ୍ୟର ନିନାଦରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଗତ ୫ ଦିନ ଧରି ଚାଲିଥିବା ପ୍ରତିଷ୍ଠା ଉତ୍ସବର ଆଜି ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‌ଏହି ଅବସରରେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ ମା’ଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ପ୍ରତିଷ୍ଠା କାର୍ଯ୍ୟରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ଓଡିଶା ଦେବଭୂମି’। ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ। ଏଠାରେ ଗାଁ ଗାଁରେ ମାଆଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି। ଗଞ୍ଜାମବାସୀଙ୍କ ସୁଖଦୁଃଖରେ ଆମେ ଇଷ୍ଟ ଦେବୀ ମାଆ ତାରାତାରିଣୀଙ୍କ ଶରଣ ନେଇଥାଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ତାଙ୍କରି ଆଶୀର୍ବାଦ ଓ ଇଚ୍ଛାରେ ହିଁ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି। ଏହି କାର୍ଯ୍ୟରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମାଆ ତାରାତାରିଣୀଙ୍କ ମନ୍ଦିରର ନୂଆ ରୂପକୁ ଓଡିଶାର କଳା ସ୍ଥାପତ୍ୟ ଓ ଭାସ୍କର୍ଯ୍ୟର ଅନୁପମ ନିଦର୍ଶନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟରେ ନିୟୋଜିତ ଶିଳ୍ପୀ ଓ କାରିଗରମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ। ମୁଁ ଯେବେ ବି ମାଆଙ୍କ ଦର୍ଶନ ପାଇଁ ପୀଠକୁ ଆସିଛି, ସେତେବେଳେ ମୋତେ ବହୁତ ଭଲ ଲାଗିଛି। ମନ୍ଦିରର ଏହି ନୂଆ ରୂପ ଓ ବିକଶିତ ପରିବେଶ ଅଧିକ ଭକ୍ତ ଓ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ନିମନ୍ତେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗର ଉଚ୍ଚପ୍ରଶଂସା କରିଥିଲେ। ଶେଷରେ ଶାନ୍ତି ଓ ସହଯୋଗ ଭିତ୍ତିରେ ଗଞ୍ଜାମର ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ଆହ୍ବାନ ଦେଇଥିଲେ।

ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିକଶିତ ବିଭିନ୍ନ ସୁବିଧା ସୁଯୋଗର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ଏବଂ ଋଷିକୂଲ୍ୟା ନଦୀତଟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ମଧ୍ୟ ରଖିଥିଲେ। ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର, ଭୁବନେଶ୍ବରର ଶ୍ରୀ ଲିଙ୍ଗରାଜ ମନ୍ଦିର, ମାଆ ସମଲେଶ୍ବରୀ ମନ୍ଦିର, କେନ୍ଦ୍ରାପଡ଼ା ଶ୍ରୀ ବଳଦେବଜୀଉ ମନ୍ଦିର ସମତେ ରାଜ୍ୟର ବିଭିନ୍ନ ମନ୍ଦିରର ସେବାୟତ ମାନେ ଯୋଗ ଦେଇଥିଲେ। ଏହି ଭବ୍ୟ ମନ୍ଦିର ନିର୍ମାଣରେ ବିଶିଷ୍ଟ ସ୍ଥପତି ପଦ୍ମବିଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କର ବିଶେଷ ଅବଦାନ ରହିଥିଲା। ପ୍ରତିଷ୍ଠା ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ନାତି ସ୍ମିତେଶ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟତମ ସ୍ଥପତି ନାରାୟଣ ତ୍ରିପାଠୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା।

ସୂଚନାଯୋଗ୍ୟ, ବ୍ରହ୍ମପୁର ଠାରୁ ୩୦ କିଲୋମିଟର ଦୂରରେ ଋଶିକୂଲ୍ୟା ନଦୀ କୂଳରେ ମାଆ ତାରାତାରିଣୀଙ୍କ ପୀଠ ଏକ ପ୍ରସିଦ୍ଧ ଶକ୍ତିସ୍ଥଳ ରୂପେ ପରିଗଣିତ ହୋଇଆସୁଛି। କୁମାରୀ ପାହାଡର ସର୍ବୋଚ୍ଚ ଶିଖରରେ ପୂଜା ପାଆନ୍ତି ଦୁଇ ଦେବୀ ମାଆ ତାରା ଓ ତାରିଣୀ। ଏହି ପୀଠର ନବକଳେବର ଦେବା ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଆଜି ସାକାର ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭିକେ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାପାଳ ଥିବା ସମୟରେ ମନ୍ଦିର ରୂପାନ୍ତରର ଭୂମି ପୂଜନ କରାଯାଇଥିଲା। ପୂର୍ବରୁ ଭକ୍ତମାନେ ଅନେକ ପାହାଚ ଚଢି ମାଆଙ୍କ ଦର୍ଶନ ପାଇଁ ଯାଉଥିଲେ ଏବେ ରୋପୱେ ସହ ପୀଠକୁ ସୁନ୍ଦର ରାସ୍ତା ମଧ୍ୟ ତିଆରି ହୋଇଛି। ଏହି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଓ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ତାରାତାରିଣୀ ମନ୍ଦିରର ରୂପାନ୍ତରକୁ ୫ଟି ରୂପାନ୍ତରଣ କାର୍ଯ୍ୟକ୍ରମର ପ୍ରକୃଷ୍ଟ ଉଦାହରଣ ଭାବରେ ବର୍ଣ୍ଣନା କରିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ, ସାଂସଦ, ବିଧାୟକ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ ଓ ଗଞ୍ଜାମ ଜିଲ୍ଲାପାଳଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତମାନଙ୍କ ପାଇଁ ମନ୍ଦିର ପରିସରରେ ଏକ ମନୋରମ ପରିବେଶ ସୃଷ୍ଟି କରାଯାଇଛି। ପ୍ରସାଦ ସେବନ ଗୃହ, ଦୀପ ପ୍ରଜ୍ବଳନ ସ୍ଥାନ, ବାଖ୍ୟାନ କେନ୍ଦ୍ର, ମୁଣ୍ଡନ କେନ୍ଦ୍ର, ବିଶ୍ରାମସ୍ଥଳ, ସେଣ୍ଟ୍ରାଲ ପ୍ଲାଜା ଓ ଅତ୍ୟାଧୁନିକ ଆଲୋକ ବ୍ୟବସ୍ଥା ଆଦି ନୂତନ ସୁବିଧା ସହିତ ସ୍ବଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯାଇଛି। ପାହାଚ ଶ୍ରେଣୀ, ରୋପୱେ ଏବଂ ନୂତନ ସଡକ ଦ୍ବାରା ପୀଠକୁ ଯିବା ପାଇଁ ୩ ପ୍ରକାରର ବ୍ୟବସ୍ଥା କରାଯାଇଛି। ଏହାସହିତ ନଦୀ କୂଳ ସଡକକୁ ମଧ୍ୟ ନୂତନ ଭାବେ ନିର୍ମାଣ କରାଯାଇଛି ଏବଂ ଏଠାରୁ ଋଷିକୂଲ୍ୟା ନଦୀର ସୌନ୍ଦର୍ଯ୍ୟକୁ ଅନୁଭବ କରିବାର ସୁଯୋଗ ପର୍ଯ୍ୟଟକମାନଙ୍କ ପାଇଁ ଏକ ଅପୂର୍ବ ଆକର୍ଷଣ ସୃଷ୍ଟି କରିପାରିଛି। ଏ ସମସ୍ତ ବ୍ୟବସ୍ଥା ପାଇଁ ୧୧୫ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି।