ନାମାଙ୍କନ ପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଶ୍ରୀମତୀ ମୁର୍ମୁ ରାଜ୍ୟସଭାର ସେକ୍ରେଟେରୀ ଜେନେରାଲ ଅଫିସରେ ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାପଡ଼ିଛି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ଜେଡିୟୁ ଅଧ୍ୟକ୍ଷ ଲଲନ ସିଂହ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସଆର ଜଗନ ରେଡ୍ଡୀଙ୍କ ସମେତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ବିଜେପି ମୁଖ୍ୟାଳୟରେ ହୋଇଥିବା ସଂସଦୀୟ ଦଳର ବୈଠକରେ ଦ୍ରୌପଦୀ ମୁର୍ମୁଙ୍କ ନାମ ଘୋଷଣା କରାଯାଇଥିଲା । ବୈଠକରେ ୨୦ଟି ନାଁ ଉପରେ ବିଚାର ବିମର୍ଶ କରିବା ପରେ ସର୍ବସମ୍ମତି କ୍ରମେ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯାଇଥିବା ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସୂଚନା ଦେଇଥିଲେ ।