ଭୁବନେଶ୍ବର,ଏନ୍ଏନ୍ଏସ୍: ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି । ତେବେ ସହରାଞ୍ଚଳମାନଙ୍କରେ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ଟିକାକରଣ, ସଚେତନତା ଏବଂ ସଠିକ୍ ସୂଚନା ପ୍ରସାରଣ ଉପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁତ୍ୱ ଆରୋପ କରିଛନ୍ତି । ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ଼୍ ସ୍ଥିତି ସମୀକ୍ଷା କରି ଶ୍ରୀ ମହାପାତ୍ର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏ ବିଷୟରେ ନିର୍ଦ୍ଦେଶମାନ ଦେଇଛନ୍ତି । ରାଜ୍ୟ ଲୋକସେବା ଭବନରୁ ଅନୁଷ୍ଠିତ ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳ କୋଭିଡ଼୍ ସଂକ୍ରମଣ ଓ ପରିଚାଳନା ସମ୍ବନ୍ଧିତ ତଥ୍ୟ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ ।
ଜିଲ୍ଲାୱାରୀ ସ୍ଥିତିର ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ଆସନ୍ତାକାଲି (ଜୁଲାଇ ୧୫ ତାରିଖ)ରୁ ୧୮-୫୯ ବର୍ଷ ଲୋକଙ୍କ ପାଇଁ ଟିକାକରଣ ଅଭିଯାନ ଆରମ୍ଭ କରିବା, ଦୈନିକ କୋଭିଡ଼୍ ପରୀକ୍ଷା ସଂଖ୍ୟା ବଢ଼ାଇବା, କଲ୍ ସେଣ୍ଟରକୁ ୨୪x ୭ ଭିତ୍ତିରେ କାର୍ଯ୍ୟକ୍ଷମ କରାଇବା ଏବଂ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଇଞ୍ଜିନିଅରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନ ଆଦିରେ ଛାତ୍ରଛାତ୍ରୀମାନଙ୍କର ଟିକାକରଣ ସହ ସହରାଞ୍ଚଳମାନଙ୍କରେ ୧୮ ରୁ ୫୯ ବର୍ଷ ଲୋକଙ୍କ ପାଇଁ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ସହରାଞ୍ଚଳରେ ପ୍ରତି ୱାର୍ଡ଼ ଏବଂ ଗ୍ରାମାଞ୍ଚଳରେ ଗ୍ରାମ ଓ ପଂଚାୟତୱାରୀ ଟିକାକରଣ କାର୍ଯ୍ୟଯୋଜନା କାର୍ଯ୍ୟାନ୍ୱୟନ ପାଇଁ ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ଶ୍ରୀ ଧଳ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟରେ ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି କର୍ମୀ, ଜନ ପ୍ରତିନିଧି, ସେଚ୍ଛାସେବୀ ଅନୁଷ୍ଠାନ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠିମାନଙ୍କୁ ସାମିଲ କରିବାକୁ ଉନ୍ନୟନ କିମିସନର ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଥିଲେ ।