ନବରଙ୍ଗପୁର,ଏନ୍ଏନ୍ଏସ୍: ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୦ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ୫ଟି ଗୋଷ୍ଠୀଗତ ହୋଇଥିବାବେଳେ ଅବଶିଷ୍ଟ ୩୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ଲୋକଙ୍କ ଅଭିଯୋଗ ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ର ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହିତ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଉପସ୍ଥିତ ଥିବା ଦିବ୍ୟାଙ୍ଗଙ୍କୁ ୧୨ଟି ହୁଇଲ ଚେୟାର, ୨ଟି ଟ୍ରାଇ ସାଇକେଲ, ୨ହଳ କ୍ରଚ ଓ ୨ଟି ଟେରାପେଡ ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ବ୍ୟତୀତ ଆରକ୍ଷୀ ଅଧୀକ୍ଷକ ଏସ୍ ସୁଶ୍ରୀ, ମୁଖ୍ୟ ଉନ୍ନୟନ ଅଧିକାରୀ ରତ୍ନାକର ସାହୁ, ନନ୍ଦାହାଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷ ରଶ୍ମିତା ମାଝୀ, ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଫୁଲ୍ଲ କହଁର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. କାଳୀ ପ୍ରସାଦ ବେହେରା, ପ୍ରଶାସକ ସମନ୍ୱିତ ଜନଜାତି ଉନ୍ନୟନ ବିଭାଗ ଅଭିମନ୍ୟୁ ମାଝୀ, ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର ଓ ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ରଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।