ନବରଙ୍ଗପୁର,ଏନ୍ଏନ୍ଏସ୍: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀଙ୍କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ସଂଜୀବ ଦୁବେଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଅତିଥିଭାବେ ପରିବାର ବିଚାର ବିଭାଗୀୟ ଜଜ ଡା. ମୁନରାନୀ ମିଶ୍ର, ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ର ଓ ଅତିରିକ୍ତ ଜିଲ୍ଲା ଜଜ ପ୍ରଣତୀ ସାହା ମଞ୍ଚାସିନ ହୋଇଥିଲେ । ଏହି ଅବସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତ, ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବି.କେ ମିଶ୍ର ଓ ସାମାଜିକ କର୍ମୀ ମନୋରମା ମାଝୀ ପ୍ରମୁଖ ଯୋଗଦେଇ ‘ସେକ୍ସୁଆଲ ହାରାସମେଣ୍ଟ ଅଫ୍ ୱିମେନ ଏଟ୍ ୱାର୍କପ୍ଲେସ’ ଆକ୍ଟ ୧୩ ବିଷୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀଙ୍କୁ ସଚେତନ କରିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।