ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୨୦ ତାରିଖ ସୁଦ୍ଧା ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇ ୨୦ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହି ବର୍ଷା ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ଥିବା ବେଳେ ୨୦ ଓ ୨୧ ଦୁଇ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ପାଣିପାଗ କେନ୍ଦ୍ରର ପୂର୍ବାନୁମାନକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା। ଚିଠି ଲେଖି ସେ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଥିବା ବେଳେ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କହିଛନ୍ତି। ସେହିପରି ଜିଲ୍ଲାପ୍ରଶାସନ ସ୍ତରରେ ତତ୍ପର ରହିବା ସହିତ ପୁରା ସ୍ଥିତି ଉପରେ ଜିଲ୍ଲାପାଳମାନଙ୍କୁ ନଜର ରଖିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।
୨୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୧ ତାରିଖରେ ଅଧିକାଂଶ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବା ବେଳେ ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ବୌଦ୍ଧ, ଯାଜପୁର, ଭଦ୍ରକ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ପବନର ବେଗ ମଧ୍ୟ ବୃଦ୍ଧି ପାଇବ।