ଭୁବନେଶ୍ୱର,କଟକ,ଏନ୍ଏନ୍ଏସ୍: ସହର ରୂପାନ୍ତରୀକରଣ ପ୍ରକ୍ରିୟାର ପ୍ରଥମ ପାହାଚ ସ୍ୱରୂପ ଆଜି ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜକୁ ସଂଯୋଗ କରୁଥିବା ରାସ୍ତା ଜୋବ୍ରାରୁ ରାଣୀହାଟ ପର୍ଯ୍ୟନ୍ତ ତାଳଦଣ୍ଡା କେନାଲର ଉଭୟ ପାର୍ଶ୍ୱରୁ ନିର୍ମିତ ତିନି ଥାକିଆ ରାସ୍ତାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ୭ ମାସ ସମୟ ମଧ୍ୟରେ ଶେଷ ହୋଇଥିବା ୧୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ନୂଆ ରାସ୍ତା ଦ୍ୱାରା କଟକ ବାହାରୁ ଆସୁଥିବା ରୋଗୀମାନେ ବିନା ଟ୍ରାଫିକ ସମସ୍ୟାରେ ସିଧା କଟକ ବଡ ମେଡିକାଲରେ ପହଞ୍ଚିପାରିବେ ଏବଂ ତୁରନ୍ତ ଚିକିତ୍ସା ସୁବିଧା ପାଇପାରିବେ।
ଏହି ନୂଆ ରାସ୍ତାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ହଜାର ବର୍ଷର ଏହି କଟକ ସହରର ମୁଖ୍ୟ ସମସ୍ୟା ହେଉଛି ଗହଳିପୂର୍ଣ୍ଣ ସଂକୀର୍ଣ୍ଣ ରାସ୍ତା, ଯାହା କି ଯାତାୟାତରେ ଅସୁବିଧା ସୃଷ୍ଟି କରିଆସୁଛି। ତେଣୁ ଏହାକୁ ଆଧୁନିକ ରୂପ ଦେବା ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଜନସାଧାରଣଙ୍କ ମତାମତକୁ ଭିତ୍ତିକରି ତାଳଦଣ୍ଡା କେନାଲର ଉଭୟ ପାର୍ଶ୍ୱର ରାସ୍ତାକୁ ଆଗାମୀ ଦିନରେ ଆହୁରି ସଂପ୍ରସାରିତ କରାଯିବ ଏବଂ ଏଥିପାଇଁ ବିସ୍ତାପିତ ହେଉଥିବା ଲୋକମାନଙ୍କୁ ମାନବିକତା ଦୃଷ୍ଟିକୋଣରୁ ଉପଯୁକ୍ତ ଭାବରେ ଥଇଥାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
