ବାଲେଶ୍ୱର,ଏନ୍ଏନ୍ଏସ୍: ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସଙ୍କୁ ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ଦଳରୁ ସସ୍ପେଣ୍ଡ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦିଆଯାଇଛି।
ଶ୍ରୀ ଦାସ ବାଲେଶ୍ୱର ସଦର ଆସନରୁ ୨୦୦୯ ଓ ୨୦୧୪ ମସିହାରେ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୨୦୧୯ରେ ବିଜେଡି ଟିକେଟରେ ପ୍ରାର୍ଥୀ ହୋଇଥିଲେ ମଧ୍ୟ ବିଜୟୀ ହୋଇପାରି ନଥିଲେ। ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ଅକାଳ ମୃତ୍ୟୁ ଯୋଗୁଁ ଉପନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଶ୍ରୀ ଦାସ ଲବି କରି ଶେଷ ମୁହୂର୍ତ୍ତରେ ବିଫଳ ହୋଇଥିଲେ। ତାଙ୍କୁ ଦଳ ପ୍ରାର୍ଥୀ କରି ନ ଥିବାରୁ ସେ ଦଳ ବିରୋଧୀ ଆଭିମୁଖ୍ୟ ଆପଣାଇ ବିଜେପି ପ୍ରାର୍ଥୀଙ୍କୁ ସହଯୋଗ କରିଥିବା ଅଭିଯୋଗ ହୋଇଥିଲା। ଯାହାକୁ ନେଇ ବିଜେଡି ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି।