ଭାରତରେ ୧ ଲକ୍ଷ ଟପିଲା ଦୈନିକ କରୋନା ସଂକ୍ରମଣ, ୪୭୮ ମୃତ

ନୂଆଦିଲ୍ଲୀ,ଏଜେନ୍ସି: କରୋନା ଭାଇରସ୍ ‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ କରି ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୩,୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୪୭୮ ଜଣଙ୍କ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୮୯,୦୬୭ରେ ପହଞ୍ଚିଛି। ଏଥିସହ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୧,୬୫,୧୦୧କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୨,୮୪୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୬,୮୨,୧୩୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭,୪୧,୮୩୦। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ସୁଦ୍ଧା ୭,୯୧,୦୫,୧୬୩ ଜଣଙ୍କୁ କୋଭିଡ ଟିକା ଦିଆଯାଇଛି।