କରୋନା ସଂକ୍ରମଣ ଦୃଷ୍ଟିରୁ ରୁକୁଣା ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କୁ ବାରଣ

ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରୁକୁଣା ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କୁ ବାରଣ କରାଯାଇଛି। ରଥଯାତ୍ରା ପାଇଁ ରଥଖଳାରୁ ମାଉସୀ ମା’ ମନ୍ଦିର ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯିବ। ଏପ୍ରିଲ ୨୦ ଓ ୨୪ରେ ୧୪୪ ଧାରା ବଳବତ୍ତର ରହିବ ବୋଲି ସିପି ନିର୍ଦ୍ଦେଶ ଦେଇଛନ୍ତି। ରଥଯାତ୍ରା ନେଇ ସିପିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ, ରୁକୁଣା ରଥଯାତ୍ରା ଲିଙ୍ଗରାଜଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହା ଓଡ଼ିଶାର ଭୁବନେଶ୍ୱରଠାରେ ଲିଙ୍ଗରାଜ ମନ୍ଦିରରେ ପାଳନ କରାଯାଇଥାଏ। ଏହା ପୁରୀର ରଥଯାତ୍ରା ଠାରୁ ମଧ୍ୟ ଅଧିକ ପୁରୁଣା ଯାତ୍ରା। ପୌରାଣିକ କିମ୍ବଦନ୍ତୀ ଅନୁସାରେ ରାମଚନ୍ଦ୍ର ରାବଣକୁ ହତ୍ୟାକରି ସୀତାଙ୍କୁ ଉଦ୍ଧାର କରିଥିଲେ। ରାବଣ ବ୍ରାହ୍ମଣ ହୋଇଥିବାରୁ ରାମଚନ୍ଦ୍ରଙ୍କୁ ବ୍ରହ୍ମ ହତ୍ୟା ଦୋଷ ଲାଗିଲା। ଏହିପାପରୁ ମୁକ୍ତି ପାଇବା ପାଇଁ ସେ କୁଳଗୁରୁ ବଶିଷ୍ଠଙ୍କ କଥା ଅନୁସାରେ ଏକାମ୍ର କ୍ଷେତ୍ରକୁ ଯାଇ ରାମେଶ୍ୱରଠାରେ ହରିହର (ଲିଙ୍ଗରାଜ)ଙ୍କୁ ପ୍ରତିଦିନ ପୂଜା କଲେ। ଏହି ଉପାସନାରେ ପ୍ରଭୁ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ କ’ଣ ବର ଚାହଁ ବୋଲି ପଚାରିଲେ।

ଲିଙ୍ଗରାଜ ମହାପ୍ରଭୁ ଦେବଦଳନ ରଥରେ ବସି ରାମେଶ୍ୱର ମନ୍ଦିର ଆସିବେ ବୋଲି ରାମଚନ୍ଦ୍ର ବର ମାଗିଥିଲେ। ସେହିଦିନଠାରୁ ତାଙ୍କୁ ଦର୍ଶନ ଦେବା ଲାଗି ଲିଙ୍ଗରାଜ ମହାପ୍ରଭୁ ରାମେଶ୍ୱର ମନ୍ଦିରକୁ ପାଞ୍ଚଦିନ ପାଇଁ ରଥଯାତ୍ରାରେ ଆସିଥାନ୍ତି। ଉକ୍ତ ପ୍ରଥା ଓ ପରମ୍ପରା ଅନୁସାରେ ଏହି ରଥଯାତ୍ରା ହୋଇ ଆସୁଛି।