ସମ୍ଭାବ୍ୟ ବାତ୍ୟା ମୁକାବିଲାର ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଭିଡିଓ କନଫରେନସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ୟାସର ମୁକାବିଲା ପାଇଁ ଏକ ବୈଠକରେ ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ୱ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସବୁ ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ଏକମାତ୍ର ସିଦ୍ଧାନ୍ତ ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହେଉଛି ତଳିଆ ଅଞ୍ଚଳରେ ଏବଂ ବିପଦସଂକୁଳ ବାସସ୍ଥାନରେ ରହୁଥିବା ଲୋକଙ୍କ ସ୍ଥାନାନ୍ତର। ଜିଲ୍ଲାପାଳ ଓ ଏସପି ମାନେ ଏହି କାର୍ଯ୍ୟକୁ ବ୍ୟକ୍ତିଗତ ଭାବେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହାସହିତ ମୁଖ୍ୟ ଶାସନ ସଚିବ ଏହି ବାତ୍ୟା ପ୍ରସ୍ତୁତି କାର୍ଯ୍ୟକ୍ରମକୁ ନିୟମିତ ମନିଟରିଂ କରି ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ପରାମର୍ଶ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଉ ୨ ଦିନ ମଧ୍ୟରେ ବଙ୍ଗୋପସାଗରରେ ବାତ୍ୟା ୟାସର ସୃଷ୍ଟି ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ସୁଦ୍ଧା ଏହାର ଗତିପଥ ଠିକ୍‌ ଭାବରେ ନିର୍ଣ୍ଣୟ ହୋଇନାହିଁ। ତେଣୁ ଆମର ସମସ୍ତ ଉପକୂଳବର୍ତ୍ତୀ ଓ ଏହାର ଆଖପାଖ ଜିଲ୍ଲା ଗୁଡିକ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହି ପ୍ରବଳ ବର୍ଷା ଓ ପବନ ପାଇଁଁ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବିପର୍ଯ୍ୟୟ ପରିଚାଳନା ଟିମ୍‌ ଯଥା– ଓଡରାଫ୍, ଏନଡିଆରଏଫ୍, ରୋଡ୍ କ୍ଲିୟରିଂ ମେସିନ୍ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଆବଶ୍ୟକ ସମସ୍ତ ଯନ୍ତ୍ରପାତି ପ୍ରସ୍ତୁତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେହିପରି ବିଦ୍ୟୁତ ଯୋଗାଣ ଓ ଟେଲି ଯୋଗାଯୋଗ ବ୍ୟବସ୍ଥାର ପୁନଃସଂଯୋଗ ପାଇଁ ସମସ୍ତ ଟିମ୍‌ ଓ ଆବଶ୍ୟକ ଯନ୍ତ୍ରପାତି ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଆବଶ୍ୟକସ୍ଥଳେ ଅନ୍ୟ ରାଜ୍ୟରୁ ଅତିରିକ୍ତ ଟିମ୍‌ ଓ ଯନ୍ତ୍ରପାତି ଆଣି ମହଜୁଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି କୋଭିଡ ପରିସ୍ଥିତି ଯୋଗୁ ଏହି ସମୟରେ ଅକସିଜେନ ଯୋଗାଣ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବାତ୍ୟା ସମୟରେ ରାଜ୍ୟ ମଧ୍ୟରେ ତଥା ରାଜ୍ୟ ବାହାରକୁ ଅକ୍‌ସିଜେନ ଯୋଗାଣରେ ଯେପରି କୌଣସି ସମସ୍ୟା ନହୁଏ, ସେଥିପ୍ରତି ସ୍ୱତନ୍ତ୍ର ଭାବରେ ଧ୍ୟାନ ଦେଇ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିପର୍ୟୟ ପରିଚାଳନାରେ ଓଡିଶାର ସ୍ୱତନ୍ତ୍ର ଦକ୍ଷତା ରହିଛି ଏବଂ ଆମେ ଏବେ ପ୍ରାୟ ପ୍ରତିବର୍ଷ ବାତ୍ୟାର ସମ୍ମୁଖୀନ ହେଉଛୁ। କୋଭିଡ ମହାମାରୀ ଯୋଗୁଁ ପରିସ୍ଥିତି ଆହୁରି ଜଟିଳ ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବ ଏବଂ ଏକ ତ୍ରୁଟିଶୂନ୍ୟ ପ୍ରସ୍ତୁତି ପ୍ରକ୍ରିୟାକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବାତ୍ୟାର ସମ୍ମୁଖୀନ ହେବା ପାଇଁ ରାଜ୍ୟସରକାର ପ୍ରସ୍ତୁତ ବୋଲି ପ୍ରକାଶ କରିବା ସହିତ ଜନସାଧାରଣ ଭୟଭୀତ ନ ହୋଇ କର୍ତ୍ତୃପକ୍ଷଙ୍କ ପରାମର୍ଶକୁ ମାନିବା ସହିତ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।