ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପୁନରୁଦ୍ଧାର ସମୀକ୍ଷା; ସମସ୍ତ ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବାକୁ ନିର୍ଦ୍ଦେଶ

ଜନତାଙ୍କ ସହଯୋଗରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ପ୍ରମାଣିତ ହୋଇଛି-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନଫରେନ୍‌ସିଂ ଜରିଆରେ ବାତ୍ୟା ୟାସ୍’ର ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ୭ ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲା ଗୁଡିକରେ ଭାଙ୍ଗି ଯାଇଥିବା ଘର ଗୁଡିକ ସଂପର୍କରେ ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରିଲିଫ, ପୁନର୍ଗଠନ ଓ ପୁନରୁଦ୍ଧାର ପ୍ରକ୍ରିୟା ଉପରେ ସମସ୍ତ ଧ୍ୟାନ କେନ୍ଦ୍ରୀତ କରିବାକୁ ପଡିବ। ଗତକାଲି କ୍ଷତିଗ୍ରସ୍ତ ଜଳମଗ୍ନ ଅଞ୍ଚଳରେ ୭ ଦିନ ପାଇଁ ରିଲିଫ ଘୋଷଣା କରାଯାଇଥିଲା। ଏଥିସହିତ ସମସ୍ତ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ପ୍ରକ୍ରିୟା ଖୁବଶୀଘ୍ର ସ୍ୱାଭାବିକ କରିବା ପାଇଁ ପରାମର୍ଶ ଦେଇ ଆଜି ସଂଧ୍ୟା ସୁଦ୍ଧା ସମସ୍ତ ମୁଖ୍ୟ ସଡକ ଗୁଡିକ ଯାନବାହାନ ଚଳାଚଳ ପାଇଁ ଅବରୋଧମୁକ୍ତ ହେବ ବୋଲି କହିଛନ୍ତି।

ସେହିପରି ବୈତରଣୀ ନଦୀର ତଳ ଅଞ୍ଚଳରେ ବନ୍ୟା ଆସିବାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ୟାସ୍’ର ପରିଚାଳନାରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତ ବିଷୟକୁ ଦୃଷ୍ଟିରେ ରଖି ବିଧିବଦ୍ଧ ଯୋଜନା ଏବଂ ତ୍ରୁଟିଶୂନ୍ୟ ପରିଚାଳନା ଯୋଗୁ ବାତ୍ୟା ୟାସ୍’ର ସଫଳ ମୁକାବିଲା କରାଯାଇପାରିଛି। ସେହିପରି ଜନସାଧାରଣଙ୍କ ସହଯୋଗରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ଥରେ ପ୍ରମାଣିତ ହୋଇଛି। ଏଥି ସହ କେନ୍ଦ୍ର ସରକାର ଏବଂ ବିଭିନ୍ନ କେନ୍ଦ୍ରୀୟ ସଂସ୍ଥା ଯଥା ଏନଡିଆରଏଫ, ଆଇଏମଡି ଓ ଅନ୍ୟାନ୍ୟ କେନ୍ଦ୍ରୀୟ ସଂସ୍ଥାକୁ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ବାତ୍ୟା କ୍ଷୟକ୍ଷତି ଆକଳନ କରିଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଛି। ସେହିପରି ବିଦ୍ୟୁତ ଯୋଗାଯୋଗ ପ୍ରକ୍ରିୟା ୭୫ ରୁ ୮୦ ପ୍ରତିଶତ ସ୍ୱାଭାବିକ ହୋଇଛି। ଜଳମଗ୍ନ ଅଞ୍ଚଳ ବ୍ୟତୀତ ଅନ୍ୟ ସମସ୍ତ ସ୍ଥାନରେ ବିଦ୍ୟୁତ ଯୋଗାଯୋଗ ସ୍ୱାଭାବିକ ହୋଇଛି। ପାନୀୟ ଜଳ ପାଇଁ ଡିଜି ସେଟ୍‌ ଓ ଟ୍ୟାଙ୍କର ବ୍ୟବସ୍ଥା ହୋଇଥିବା ସୂଚନା ଦେଇଛନ୍ତି।

ସ୍ୱତନ୍ତ୍ର ରିଲିଫ କମିସନର ପି.କେ. ଜେନା ଏକ ଉପସ୍ଥାପନା ରଖି କରିଥିଲେ ଯେ ଲୋକଙ୍କ ସୁରକ୍ଷା ପାଇଁ ୧୨ଟି ଜିଲ୍ଲାର ୭ ଲକ୍ଷ ୧୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୮୪୧୦ଟି ଆଶ୍ରୟ ସ୍ଥଳରେ ରଖାଯାଇଥିଲା। ୨୦୦ଟି ବ୍ଲକରେ ପ୍ରବଳ ବର୍ଷା ହୋଇଥିଲା। ଏଥିସହ ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ବନ୍ୟାଜଳ ବଢୁଥିବାରୁ ବନ୍ୟା ଆଶଙ୍କା କମ ବୋଲି ପ୍ରକାଶ କରିଛନ୍ତି। ଅନ୍ୟପଟେ ବୈତରଣୀ ନଦୀର ନିମ୍ନାଞ୍ଚଳରେ ବନ୍ୟାର ସମ୍ଭାବନା ରହିଛି ଓ ସେଥିପ୍ରତି ସତର୍କ ଦୃଷ୍ଟି ରଖାଯାଇଛି।

ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମସ୍ତ କୋଭିଡ ହସ୍‌ପିଟାଲରେ ଭିତ୍ତିଭୂମି ଠିକ୍‌ ରହିଛି। ବୈଠକରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ଜିଲ୍ଲାରେ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟକ୍ରମ ଗୁଡିକର ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ସଂଯୋଜନା କରିଥିଲେ। ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।