- ଲାହୋର: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଆଜି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଯାତ୍ରୀବାହୀ ବସ୍ ଓ ଟ୍ରକ୍ ମଧ୍ୟରେ ଦୁର୍ଘଟଣା ଘଟିବାରୁ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୭୪ ଜଣ ଏଥିରେ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କିଛି ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା ପ୍ରକାଶ ପାଇଛି।
ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ଲାହୋରଠାରୁ ୪୬୬ କିମି ଦୂର ଡେରା ଗାଜି ଖାନ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି। ଭୋର ପ୍ରାୟ ୫.୪୦ରେ ଯାତ୍ରୀବାହୀ ବସ୍ଟି ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଗୋଟିଏ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା।
ଘଟଣାସ୍ଥଳରେ ହିଁ ୩୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ବସ୍ଟି ସମ୍ପୂର୍ଣ୍ଣ ଧ୍ୱଂସ ପାଇଯାଇଛି। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଡେରା ଗାଜି ଖାନ୍ ଟିଚିଂ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ଦୁର୍ଘଟଣାରେ ପାକିସ୍ତାନର ସୂଚନା ମନ୍ତ୍ରୀ ଫୱାଦ ଚୌଧୁରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।