ବାତ୍ୟା ଗୁଲାବ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲାବ ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ୱାରୋପ କରିଛନ୍ତି ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ମଧ୍ୟ ଦେଇଛନ୍ତି। ସୂଚନା ଅନୁସାରେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ସହ କୋଭିଡ଼ ନିୟମ ପାଳନରେ ପ୍ରଶାସନକୁ ସହଯୋଗ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ୪୨ଟି ଓଡ୍ରାଫ, ୨୪ଟି ଏନଡ଼ିଆରଏଫ୍ ଟିମ୍ ଓ ୧୦୩ଟି ଅଗ୍ନିଶମ ଦଳ ନିୟୋଜିତ ହୋଇଛନ୍ତି। ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ପ୍ରଭିବିତ ୧୧ଟି ଜିଲ୍ଲାର ସ୍କୁଲ ବନ୍ଦ ରହିବ। ଆଜି ଅପରାହ୍ଣ ସୁଦ୍ଧା ଗୁଲାବ୍ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରିଯିବା ସହିତ ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

ଏହାସହିତ ଆସ୍କା, ଗୁଡାରୀ, ଗୁଣପୁର, କଡିନଗର ଏବଂ ପୁରୁଷୋତ୍ତମପୁର ତଥା ଅନ୍ୟ ବନ୍ୟା ପ୍ରବଣ ଗାଁ ମାନଙ୍କରେ ଥିବା ବନ୍ଧବାଡ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବାତ୍ୟା ଆଶ୍ରୟସ୍ଥଳ ଗୁଡିକରେ ଭଲ ପିଇବା ପାଣି ସମେତ ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ କରାଯିବା ସଙ୍ଗେ ସଙ୍ଗେ ଗର୍ଭବତୀ ମହିଳା, ବୟସ୍କ ଓ ଶିଶୁ ମାନଙ୍କ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଥିଲେ। ବାତ୍ୟା ପରେ ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମାଇକ ଯୋଗେ ଲୋକଙ୍କୁ ସଚେତନ କରିବା ସହ ସ୍ଥାନାନ୍ତର ଆଶ୍ରୟସ୍ଥଳ ପରିଚାଳନା ତଥା ପୁନରୁଦ୍ଧାର କାର୍ଯ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନ, ମିଶନ ଶକ୍ତି ଗୋଷ୍ଠୀ ଓ ସ୍ୱେଚ୍ଛାସେବୀମାନଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଳସଂପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳ ମାନେ ବୈଠକରେ ଭାଗ ନେଇଥିଲେ।