ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବରକାଗଜ ହକରଙ୍କୁ ସେମାନଙ୍କର ହକ୍ ପ୍ରଦାନ କରିଛନ୍ତି। ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି। ଏଥିଲାଗି ରାଜ୍ୟର ୭,୩୦୦ ହକରଙ୍କ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟାବେସ୍ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ଫଳରେ ପ୍ରତ୍ୟେକ ପଞ୍ଜୀକୃତ ହକର ୬ହଜାର ଟଙ୍କା ଲେଖାଏଁ ସହାୟତା ପାଇଛନ୍ତି । ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି।
ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହକରମାନେ ହେଉଛନ୍ତି ଖବରକାଗଜ ଓ ପାଠକଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକଙ୍କୁ ଖବରକାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବରକାଗଜର ଚାହିଦା କମି ନାହିଁ ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, କୋଭିଡ ସହାୟତା ସହିତ ହକରଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ଲକ୍ଷ ଟଙ୍କା, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ୧ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ହକରଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି। ହକରମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍ ନିର୍ମାଣ କରାଯିବ। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ।