ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖବର କାଗଜର ହକର୍ମାନଙ୍କର ଦୁଃଖ ବୁଝିଛନ୍ତି। ପ୍ରତି ହକର୍ ପାଇବେ ୬ ହଜାର ଟଙ୍କାର କୋଭିଡ୍ ସହାୟତା। ମୋଟ୍ ୭୩୦୦ ପଞ୍ଜିକୃତ ହକର ଉପକୃତ ହେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪.୩୮ କୋଟି ଟଙ୍କା ମଞ୍ଜୁର ହୋଇଛି। ସାରା ଭାରତ ବର୍ଷରେ ଏହି ନିଷ୍ପତ୍ତି ପ୍ରଥମ।
ଗୁରୁବାର ଲୋକସେବା ଭବନ କନ୍ଭେନସନ ହଲ୍ରେ ଆୟୋଜିତ ହୋଇଥିଲା କାର୍ଯ୍ୟକ୍ରମ। ଭର୍ଚୁଆଲ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ରାଜ୍ୟର ଖବରକାଗଜ ହକର୍ଙ୍କୁ ସ୍ୱତନ୍ତ୍ର କୋଭିଡ୍ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକରଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି। ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକରଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକରଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକରଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ରାଜ୍ୟର ୭୩୦୦ ହକରଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍ ପ୍ରସ୍ତୁତ କରାଯାଇ ପଞ୍ଜିକୃତ କରାଯାଇଛି। ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହକରମାନେ ହେଉଛନ୍ତି ଖବରକାଗଜ ଓ ପାଠକଙ୍କ ମଧ୍ୟରେ ସେତୁ। ଖରା, ବର୍ଷା ଓ ଶୀତ ସବୁ ସମୟରେ ଏପରିକି କୋଭିଡ୍ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକଙ୍କୁ ଖବରକାଗଜ ଯୋଗାଇଛନ୍ତି। ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମିନାହିଁ।
କାର୍ଯ୍ୟକ୍ରମରେ ଯୋଗଦେଇ ଜଳସଂପଦ ଓ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଲେ, ମୁଖ୍ୟମନ୍ତ୍ରୀ ଅନେକ ଜନକଲ୍ୟାଣ କାର୍ଯ୍ୟକ୍ରମ କରି ଓଡ଼ିିଶାର ପ୍ରଗତୀରେ ନୂଆ ଇତିହାସ ଲେଖିଛନ୍ତି। ଆର୍ôଥକ ଦୂରବସ୍ଥାର ସମ୍ମୁଖୀନ ହେଉଥିବା ହକର୍ମାନେ ଏନେଇ ଉପକୃତ ହୋଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ ଏଥିରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସାରା ଦେଶରେ ଅଭିନବ ଓ ଅନନ୍ୟ ବୋଲି ପ୍ରକାଶ କରିଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ବଭିିନ୍ନ ଜିଲ୍ଲାରେ ଭର୍ଚୁଆଲରେ ବିଭିନ୍ନ ମନ୍ତ୍ରୀ, ବିଧାୟକ ଓ ହକରମାନେ ଉପସ୍ଥିତ ଥିଲେ। ଭୁବନେଶ୍ୱରରୁ ଗୋବର୍ଦ୍ଧନ ଦାସ, କଟକରୁ ରତ୍ନାକର ପ୍ରଧାନ, ସମ୍ବଲପୁରରୁ କୃଷ୍ଣଚନ୍ଦ୍ର ନାଥ ଓ ବ୍ରହ୍ମପୁରରୁ ସନ୍ତୋଷ ପାଣିଗ୍ରାହୀ ପ୍ରମୁଖ ହକରମାନେ ନିଜ ନିଜର ଅନୁଭବ ବ୍ୟକ୍ତ କରିଥିଲେ। ସେମାନେ କହିଥିଲେ, ଆମେ ଅନେକ ଅର୍ଥାଭାବର ସମ୍ମୁଖୀନ ହୋଇଛୁ। ମୁଖ୍ୟମନ୍ତ୍ରୀ ଆମ ଦୁଃଖ ବୁଝିଥିବାରୁ ଆମେ ହୃଦୟରୁ ତାଙ୍କ ପ୍ରତି ଆମର କୃତଜ୍ଞତା ପ୍ରକାଶ କରୁଛୁ।
ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ୱାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ବିଧାୟକଗଣ, ଜିଲ୍ଲାପାଳ, ସୂଚନା ଓ ଲୋକସଂପର୍କ ଅଧିକାରୀ ଓ ହକରମାନେ ଉପସ୍ଥିତ ଥିଲେ।