ଆଗାମୀ ୩ ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ–ମୁଖ୍ୟମନ୍ତ୍ରୀ

ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଗାମୀ ୩ ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସଂ ଜରିଆରେ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଜି ବାଲେଶ୍ୱରର ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସହରର ବିକାଶ ଠାରୁ ଆରମ୍ଭ କରି କୋଭିଡ ଲଢ଼େଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି। ତେଣୁ ବିକାଶ ଉପରେ ମଧ୍ୟ ସେମାନଙ୍କର ସମାନ ଅଧିକାର ରହିଛି।

ଏହି ଯୋଜନାରେ ରାଜ୍ୟର ବସ୍ତିରେ ବିଜୁଳି, ଭଲ ପିଇବା ପାଣି, ରାସ୍ତା, ଗୋଷ୍ଠୀକେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଅଣାଯିବ। ସେହିପରି ସେହି ଲୋକଙ୍କ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟର ଏକ ହଜାର ବସ୍ତିରେ ଏହି କାର୍ଯ୍ୟକ୍ରମ ତୁରନ୍ତ ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ଜାଗା ମିଶନ ସାରା ଦେଶରେ ଇତିହାସ ସୃଷ୍ଟି କରିଥିଲା। ଏପରିକି ଏହି କାର୍ଯ୍ୟକ୍ରମ ବିଶ୍ୱ ସମୁଦାୟର ମଧ୍ୟ ଦୃଷ୍ଟି ଆକର୍ଷଣ କରିପାରିଥିଲା। ସେହିପରି ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ କୋଭିଡ ନିୟମର ପାଳନ କରିବା ପାଇଁ ଅନୁରୋଧ କରିଥିଲେ।

ମୁଖ୍ୟମନ୍ତ୍ରୀ ବାଲେଶ୍ୱରର ୪୧ଟି ବସ୍ତିର ୨୦୫୪ ଜଣଙ୍କୁ ଏବଂ ସାରା ରାଜ୍ୟରେ ୧,୦୫,୦୦୦ ଜମି ଅଧିଗ୍ରହଣର ପ୍ରମାଣପତ୍ର ଆବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପୂର୍ବରୁ ୬୦ ହଜାର ବସ୍ତି ଲୋକଙ୍କୁ ଏହି ପ୍ରମାଣପତ୍ର ପ୍ରଦାନ କରାଯାଇଛି ଓ ଆଗାମୀ ୩ ମାସ ମଧ୍ୟରେ ୧ ଲକ୍ଷ ୬୫ ହଜାରରୁ ଅଧିକ ଲୋକ ଜମି ଅଧିଗ୍ରହଣ ପ୍ରମାଣପତ୍ର ପାଇବେ। ଫଳରେ ସାରା ରାଜ୍ୟର ୧୦୧ଟି ପୌରାଞ୍ଚଳର ୧୭୧୮ଟି ବସ୍ତିର ସାଢ଼େ ୪ ଲକ୍ଷ ଲୋକ ଏଥିରେ ଉପକୃତ ହେବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧୬ଟି ବହୁମୁଖୀ ଗୋଷ୍ଠୀ କେନ୍ଦ୍ର ‘ପରିଚୟ’ ର ମଧ୍ୟ ଲୋକାର୍ପଣ କରିଥିଲେ। ସୂଚନାଯୋଗ୍ୟ ଯେ ଆଉ ୪୦୦ଟି ପରିଚୟ ବହୁମୁଖୀ ଗୋଷ୍ଠୀକେନ୍ଦ୍ର ନିର୍ମାଣାଧୀନ ଅଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବସ୍ତି ଉନ୍ନତୀକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ତଥା ଦିଲ୍ଲୀସ୍ଥିତ ନୀତି ଅନୁସନ୍ଧାନ କେନ୍ଦ୍ର ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା।

ବାଲେଶ୍ୱରର ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ଓ ଗୃହନିର୍ମାଣ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ କହିଛନ୍ତି ଯେ, ସହରର ଅନ୍ୟ ଅଞ୍ଚଳ ସହିତ ବସ୍ତି ଉନ୍ନତୀକରଣ ଯୋଜନା ଓ ତାଲିକା ପ୍ରସ୍ତୁତ ହୋଇସାରିଛି। ବର୍ତ୍ତମାନ ବସ୍ତିର ଜନସାଧାରଣ ସହରର ଅନ୍ୟ ଅଞ୍ଚଳ ପରି ସମାନ ସୁବିଧା ଓ ସମାନ ଅଧିକାର ପାଇପାରିବେ। ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାତନନ୍ ସ୍ୱାଗତ ଭାଷଣ ଦେବା ସହ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିସନର ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।