ଭୁବନେଶ୍ୱର ଆଇଆଇଟି ପରିସରରେ କେନ୍ଦ୍ରୀୟ ବିଦ୍ୟାଳୟ ଶ୍ରେଣୀଗୃହ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶା ସମେତ ସମଗ୍ର ଭାରତବର୍ଷରେ ପିଏମ ଶ୍ରୀ ସ୍କୁଲ ପ୍ରତିଷ୍ଠା କରାଯିବ: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ବର,ଏନ୍ଏନ୍ଏସ୍: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ଆଇଆଇଟି ପରିସରରେ କେନ୍ଦ୍ରୀୟ ବିଦ୍ୟାଳୟ ନିର୍ମାଣ ପାଇଁ ଭୂମିପୂଜନ କରିଛନ୍ତି । ଭୂମିପୂଜନ ଅବସରରେ ସେ କହିଛନ୍ତି ଯେ, ଏହି ବିଦ୍ୟାଳୟ ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରି ଉଜ୍ଜ୍ୱଳ ଭବିଷ୍ୟତର ସ୍ୱପ୍ନକୁ ସାକାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।
ଓଡ଼ିଶାରେ ଆଇଆଇଟି ଭୁବନେଶ୍ୱର, ଏନଆଇଟି ରାଉରକେଲା, ଆଇଆଇଏମ ସମ୍ବଲପୁର, ବ୍ରହ୍ମପୁର ଆଇଜର ଭଳି ଉଚ୍ଚ ଶିକ୍ଷାନୁଷ୍ଠାନ ରହିଛି । ମିଶନ ‘ପୂର୍ବୋଦୟ’ ଅଧୀନରେ ଓଡ଼ିଶାର ପିଲା ମାନଙ୍କୁ ବୌଦ୍ଧିକ ଜଗତରେ ଉଚ୍ଚ ସ୍ଥାନକୁ ନେବା ଆମର ସାମୂହିକ ଦାୟିତ୍ୱ ହେବା ଉଚିତ୍ ।
କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ମୋଦୀ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଧିକ କେନ୍ଦ୍ରୀୟ ବିଦ୍ୟାଳୟ, ନବଦୋୟ ଓ ଏକଲବ୍ୟ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ । ସାମଗ୍ରିକ ଶିକ୍ଷା ଯୋଜନାରେ ଆଗାମୀ ୪ବର୍ଷ ମଧ୍ୟରେ ୩ ଲକ୍ଷ କୋଟି ଖର୍ଚ୍ଚ ହେବ ଓ ଓଡ଼ିଶା ସମେତ ଦେଶରେ ଶିକ୍ଷାର ଗୁଣାତ୍ମକ ମାନ ବଢ଼ିବ । ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ଦିଗରେ ଓଡ଼ିଶା ସମେତ ସମଗ୍ର ଭାରତବର୍ଷରେ ପିଏମ ଶ୍ରୀ ସ୍କୁଲ ପ୍ରତିଷ୍ଠା କରାଯିବ । ନୂଆ ସ୍କୁଲ ନୁହେଁ ବରଂ ପୁରୁଣା ସ୍କୁଲରେ ଏହି ବିଦ୍ୟାଳୟ ପ୍ରତିଷ୍ଠା ନେଇ ଭାରତ ସରକାର ସହଯୋଗୀ ହେବେ ।
ଚଳିତବର୍ଷ ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ଶିକ୍ଷକମାନଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ଦେବା ପାଇଁ ୪ ବର୍ଷୀୟା ଇଣ୍ଟିଗ୍ରେଟେଡ୍ ଟିଚର ଏଜୁକେସନ ପ୍ରୋଗ୍ରାମ ବା ଆଇଟେପର ପାଇଲଟ୍ ମଡ଼େଲ ଆରମ୍ଭ କରାଯିବ । ଏହା ଦ୍ୱାରା ଶିକ୍ଷକମାନଙ୍କ ଦକ୍ଷତା ବୃଦ୍ଧି ହେବା ସହ ଛାତ୍ରଛାତ୍ରୀଙ୍କ ପୂର୍ଣ୍ଣାଙ୍ଗ ବିକାଶ ହେବ । ଆଇଆଇଟି ଭୁବନେଶ୍ୱର ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏକ ସମ୍ମାନସ୍ପଦ ଅନୁଷ୍ଠାନ । ଏଠାକାର ଅନୁକୂଳ ପରିବେଶରେ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପାଠ ପଢ଼ିବା ସହ ଟେକ୍ନୋଲୋଜିର ବ୍ୟବହାରକୁ ଜାଣିବା ପାଇଁ ଆଗ୍ରହୀ ହେବେ । ପୂର୍ବତନ ରାଷ୍ଟ୍ରପତି ତଥା ମହାନ ବୈଜ୍ଞାନିକ ଅବଦୁଲ କଲାମ ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ପରି ସ୍ୱପ୍ନ ଦେଖିବେ । ପରବର୍ତ୍ତୀ ପର୍ଯ୍ୟାୟରେ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ ଶ୍ରେଣୀଗୃହ ନିର୍ମାଣ ହେବା ପରେ ଛାତ୍ରଛାତ୍ରୀମାନେ ପାଠ ପଢ଼ିବାର ସୁଯୋଗ ପାଇବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତିର ସୁପାରିଶ ଅନୁସାରେ ଏହି ବିଦ୍ୟାଳୟରେ ପାଠପଢ଼ା ଆରମ୍ଭ କରାଯିବ ।
