ବିଜୟ ପାଇଁ ଓଡ଼ିଶା ବାସୀ ଓ ଦଳୀୟ କର୍ମୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, ପୌର ନିର୍ବାଚନ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ବର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ଆସନ୍ତା ପୌରନିର୍ବାଚନର ପ୍ରସ୍ତୁତି ସ୍ଵରୂପ ଦଳର ଏମ୍‌.ପି. ଏମ୍‌.ଏଲ୍‌.ଏ, ଜିଲ୍ଲା ସଭାପତି ଓ ପର୍ଯ୍ୟବେକ୍ଷକ ମାନଙ୍କ ସହ ଭର୍ଚ୍ୟୁଆଲ ମାଧ୍ୟମରେ କଥା ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତ ପଞ୍ଚାୟତ ନିର୍ବାଚନରେ ଦଳର ବିପୁଳ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଓଡ଼ିଶା ବାସୀ ତଥା ଦଳର କର୍ମୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ପଞ୍ଚାୟତ ନିର୍ବାଚନରେ, ଆମର ଏହି ଅସାଧାରଣ ଓ ଅଭୂତପୂର୍ବ ସଫଳତା ପାଇଁ, ମୁଁ ସବୁ ଓଡିଶାବାସୀଙ୍କୁ ଧନ୍ୟବାଦ ଜଣାଉଛି। ଓଡିଶାବାସୀ ପୁଣିଥରେ, ଆମ କାମ ଉପରେ, ଆସ୍ଥା ପ୍ରକାଶ କରିଛନ୍ତି। ଏହି ବିଜୟ, ଗଣତାନ୍ତ୍ରିକ ନିର୍ବାଚନରେ ନୂଆ ରେକର୍ଡ ସୃଷ୍ଟି କରିଛି। ପଶ୍ଚିମରୁ ଉପକୂଳ, ଉତ୍ତରରୁ ଦକ୍ଷିଣ, ଓଡିଶାର, ସବୁ ଅଞ୍ଚଳର ଜନସାଧାରଣ, ଏହି ନିର୍ବାଚନରେ ସମାନ ଭାବରେ ବିଜୁ ଜନତା ଦଳକୁ ଆଶୀର୍ବାଦ କରିଛନ୍ତି।”

“ଏହି ଆଶୀର୍ବାଦ ଓ ସ୍ନେହ ଆମକୁ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଦେଉଛି। ମୁଁ ଧନ୍ୟବାଦ ଦେଉଛି ଆମର କର୍ମୀ ଓ ଶୁଭେଚ୍ଛୁ ମାନଙ୍କୁ, ଯେଉଁମାନେ ରାତିଦିନ ଏକ କରି କାମ କରି ନିଜର ସବୁ ସୁଖ ସୁବିଧା ତ୍ୟାଗ କରି ଆମ ସରକାରଙ୍କ ନୀତି ଓ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଉଛନ୍ତି।”

“ଏହି ସଫଳତା ହେଉଛି ଆପଣମାନଙ୍କର ଯେଉଁମାନେ ଘର ଘର ବୁଲି ପ୍ରଚାର କରି ଲୋକଙ୍କୁ ବୁଝାଇଛନ୍ତି। ଏ ସଫଳତା ହେଉଛି ଓଡିଶାବାସୀଙ୍କର, ଯେଉଁମାନେ ଆମର ସରକାରରେ ଆସ୍ଥା ରଖିଛନ୍ତି। ଆଗକୁ ଆମେ ଆମର ଭଲ କାମ ଜାରି ରଖିବୁ।”

ଆଗାମୀ ପୌର ନିର୍ବାଚନ ସମୟରେ ମଧ୍ୟ ବିରୋଧୀ ଦଳଙ୍କର ଅପପ୍ରଚାର ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତ ନିର୍ବାଚନରେ ବିରୋଧୀ ଦଳ କେତେ ଅପପ୍ରଚାର କରିଛନ୍ତି। ମୋ ସରକାରକୁ ବଦନାମ କରିବା ପାଇଁ ମିଛ କାହାଣୀ କହିଛନ୍ତି। କିନ୍ତୁ ଓଡିଶାବାସୀ ସେମାନଙ୍କ କଥାକୁ ଗୁରୁତ୍ବ ଦେଇନାହାନ୍ତି। ବିଜୁ ଜନତା ଦଳର ଆଦର୍ଶ ଓ ସହରାଞ୍ଚଳର ବିକାଶ କାର୍ଯ୍ୟ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ଆମେ ସକରାତ୍ମକ ରାଜନୀତିରେ ବିଶ୍ବାସ କରୁ। ସହରର ଗରିବ ଲୋକଙ୍କ ପାଇଁ ଜାଗା ମିଶନ ଏକ ନୂଆ ପରିଚୟ ସୃଷ୍ଟି କରିଛି।

ରାଜନୀତିର ଅର୍ଥ କେବଳ କ୍ଷମତା ନୁହେଁ। ଗୋଟିଏ ଗଣତନ୍ତ୍ରରେ ଲୋକମାନେ ହିଁ ହେଉଛନ୍ତି, କ୍ଷମତାର ସ୍ରୋତ। ରାଜ୍ୟର ସବୁଠାରୁ ଦୁର୍ଗମ ଅଞ୍ଚଳରେ ରହୁଥିବା ସାଧାରଣ ଲୋକଟିର ବିଶ୍ବାସ ହେବା ଦରକାର। ଏହି ବାର୍ତ୍ତାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ପରିଶେଷରେ ଏହି ଅଭୂତପୂର୍ବ ଜନାଦେଶ ପାଇଁ ଓଡିଶାର ଜନସାଧାରଣଙ୍କୁ ଓ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ପୁଣି ଥରେ ଧନ୍ୟବାଦ ଜଣାଇଥିଲେ।