ସ୍ୱାସ୍ଥ୍ୟସେବାରେ ଉତ୍କର୍ଷତା ନିମନ୍ତେ ମିଳିବ ପୁରସ୍କାର: ଡାକ୍ତରଙ୍କ ପାଇଁ ୧୦ ଲକ୍ଷ ଓ କର୍ମଚାରୀଙ୍କ ପାଇଁ ୫ ଲକ୍ଷ

ଭୁବନେଶ୍ୱର,ଏନ୍ଏନ୍ଏସ୍: ୫-ଟି କାର୍ଯ୍ୟକ୍ରମରେ ରାଜ୍ୟ ସରକାର ଜନସାଧାରଣଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଯୋଗଇ ଦେବା ଉପରେ ବିଶେଷ ଗୁରୁତ୍ୱାରୋପ କରୁଛନ୍ତି। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟପାଇଁ ସର୍ବୋଚ୍ଚ ପୁରସ୍କାର ଭାବରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ କରାଯିବ। ଏଥିପାଇଁ ରାଜ୍ୟସ୍ତରୀୟ ଉତ୍ସବରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାରେ ଶ୍ରେଷ୍ଠ ବିବେଚିତ ୧୦ଜଣ ଡାକ୍ତର ଓ ଅନ୍ୟ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ପୁରସ୍କୃତ କରାଯିବ। ଡାକ୍ତରଙ୍କ କ୍ଷେତ୍ରରେ ପୁରସ୍କାର ୧୦ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ଅନ୍ୟ ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କ କ୍ଷେତ୍ରରେ ୫ଲକ୍ଷ ଟଙ୍କା ଲେଖାଏଁ ରଖାଯାଇଛି। ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରସିଦ୍ଧ ବ୍ୟକ୍ତିତ୍ୱମାନଙ୍କର ଏକ କମିଟି ଏହି ପୁରସ୍କାର ନିମନ୍ତେ ଚୂଡାନ୍ତ ନିଷ୍ପତ୍ତି ଗ୍ରହଣ କରିବେ।

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନିୟୋଜିତ ଜଣେ ସ୍ଥାୟୀ କର୍ମଚାରୀ ତାଙ୍କ ଚାକିରି କାଳ ମଧ୍ୟରେ କରିଥିବା ଉଲ୍ଲେଖନୀୟ ସେବାକୁ ଭିତ୍ତି କରି ଏହି ପୁରସ୍କାର ରାଶି ପ୍ରଦାନ କରାଯିବ। ଏହି ପୁରସ୍କାର ପାଇଁ ମନୋନୀତ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନ ହିଁ ପରବର୍ତ୍ତୀ ଉଚ୍ଚପଦବୀକୁ ପଦୋନ୍ନତି ଦିଆଯିବ। ଏଥିପାଇଁ ସେ ସର୍ବନିମ୍ନ ୨୫ ବର୍ଷ ସ୍ଥାୟୀ ଚାକିରି ହେବା ଆବଶ୍ୟକ।

ସେହିପରି ନ୍ୟାସନାଲ କ୍ୱଲିଟି ଆକ୍ରିଡେସନ୍ ଷ୍ଟାଣ୍ଡାର୍ଡ ପ୍ରମାଣପତ୍ର ହାସଲ କରିଥିବା ସ୍ୱାସ୍ଥ୍ୟସେବା ଅନୁଷ୍ଠାନର ଡାକ୍ତରଙ୍କ ଠାରୁ ଆରମ୍ଭ କରି ନିରାପତ୍ତାରକ୍ଷୀ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ଗୋଟିଏ ମାସର ଦରମା ବୋନସ ଭାବରେ ପରବର୍ତ୍ତୀ ଆର୍ଥି ବର୍ଷରେ ପ୍ରଦାନ କରାଯିବ। ସେହିପରି କାୟାକଳ୍ପ ପ୍ରମାଣପତ୍ର ହାସଲ କରିଥିବା ସ୍ୱାସ୍ଥ୍ୟସେବା ଅନୁଷ୍ଠାନର ଡାକ୍ତରଙ୍କ ଠାରୁ ଆରମ୍ଭ କରି ନିରାପତ୍ତାରକ୍ଷୀ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ପରବର୍ତ୍ତୀ ଆର୍ଥିକ ବର୍ଷରେ ଅଧାମାସର ଦରମା ବୋନସ ଭାବେ ଦିଆଯିବ।

ଲକ୍ଷ୍ୟ ପ୍ରମାଣପତ୍ର ହାସଲ କରିଥିବା ସ୍ୱାସ୍ଥ୍ୟ ଅନୁଷ୍ଠାନର ପ୍ରସବ ଗୃହ ଓ ମାତୃତ୍ୱ ଅସ୍ତ୍ରୋପଚାର ଗୃହରେ କାର୍ଯ୍ୟରତ ଡାକ୍ତର ଓ ଅନ୍ୟ କର୍ମଚାରୀମାନଙ୍କ ପାଇଁ ପରବର୍ତ୍ତୀ ଆର୍ଥିକ ବର୍ଷରେ ଅଧାମାସର ଦରମା ବୋନସ ଭାବରେ ଦିଆଯିବ।
ସେହିପରି ସରକାରୀ ଡାକ୍ତରଖାନା ଯାଉଥିବା ରୋଗୀମାନଙ୍କର ମତାମତକୁ ଭିତ୍ତିକରି ସ୍ଥିର କରାଯାଇଥିବା ଶ୍ରେଷ୍ଠ ୫ଟି ସ୍ୱାସ୍ଥ୍ୟ ଅନୁଷ୍ଠାନର ମେଡିକାଲ ଅଫିସରଙ୍କୁ ତ୍ରୈମାସିକ ପ୍ରଶଂସା ପତ୍ର ପ୍ରଦାନ କରାଯିବ। ଏହା ସହିତ ବର୍ଷସାରା ଭଲ କାମ କରିଥିବା ସ୍ଥାୟୀ ମେଡିକାଲ କର୍ମଚାରୀମାନଙ୍କୁ ଏଲଟିସିରେ ବିଦେଶ ଭ୍ରମଣର ସୁଯୋଗ ଦିଆଯିବ ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ତାଲିମ ନିମନ୍ତେ ବିଦେଶ ପଠାଯିବ।

ପ୍ରସବ ଓ ତଦଜନିତ ଅସ୍ତ୍ରୋପଚାର ନିମନ୍ତେ ଭଲ କାମ କରୁଥିବା ଟିମକୁ ସ୍ୱାସ୍ଥ୍ୟ ବିଭାଗର ନିୟମାବଳୀ ଅନୁଯାୟୀ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରାଯିବ। ତେବେ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା ନିମନ୍ତେ ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କ ମଧ୍ୟରେ ଏକ ସୁସ୍ଥ ପ୍ରତିଯୋଗିତା ସୃଷ୍ଟି କରିବା ଓ ସ୍ୱାସ୍ଥ୍ୟ ଅନୁଷ୍ଠାନଗୁଡିକୁ ନ୍ୟାସନାଲ ଲେବଲ୍ କା୍ୱଲିଟି ଆକ୍ରିଡେସନ୍ ହାସଲ ପାଇଁ ଉତ୍ସାହିତ କରିବା ଏବଂ ସେମାନଙ୍କର ସଫଳତାର ସ୍ୱୀକୃତି ଦେବା ଉଦ୍ଦେଶ୍ୟରେ ଏହି ପୁରସ୍କାର ଘୋଷଣା କରାଯାଇଛି।