ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର କୋଭିଡ ହସ୍‌ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଠାରେ ବେଦାନ୍ତ ଗ୍ରୁପ ସହାୟତାରେ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ନିର୍ମିତ ହୋଇଛି। ଏହାକୁ ଆଜି ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏଥିରେ ୧୬ଟି ଆଇସିୟୁ ଓ ୧୬ଟି ଏଚଡିୟୁ ଶଯ୍ୟା ସହିତ ଏକ ସ୍ୱତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି। ଏଥିରେ ସମସ୍ତ ପ୍ରକାର ଆଧୁନିକ ଚିକିତ୍ସା ଉପକରଣ ରଖାଯାଇଛି। ଏହାଦ୍ୱାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ହସ୍‌ପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏହି ହସ୍‌ପିଟାଲରେ ଚିକିତ୍ସା ଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ। କଳାହାଣ୍ଡି ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡିର ଏ ରୂପାନ୍ତର, କଳାହାଣ୍ଡି ଜିଲ୍ଲାର ଚାଷୀ ଭାଇ, ଯୁବସମାଜ ଓ ମା’ ମାନଙ୍କ ଉଦ୍ୟମ ଯୋଗୁଁ ସମ୍ଭବ ହୋଇପାରିଛି।

କୋଭିଡ ମୁକାବିଲାରେ ରାଜ୍ୟର ପଦକ୍ଷେପ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ଦିନ ମଧ୍ୟରେ ରାଜ୍ୟରେ ୧୫ଟି ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ଦୁଇ ମାସ ମଧ୍ୟରେ ଏଥିରୁ ଉତ୍ପାଦନ ଆରମ୍ଭ ହେବ। କୋଭିଡର ଦ୍ବିତୀୟ ଲହରରେ ରୋଗୀ ମାନଙ୍କୁ ଅକ୍‌ସିଜେନ ସ୍ତର କମିବା ଯୋଗୁଁ ସାରା ଦେଶରେ ଅକ୍‌ସିଜେନ ଯୋଗାଣ ଉପରେ ଅତ୍ୟଧିକ ଚାପ ସୃଷ୍ଟି ହୋଇଥିଲା। ଏଭଳି ସମୟରେ ଓଡିଶା ୧୮ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି।

କୋଭିଡର ଦ୍ବିତୀୟ ଲହରର ମୁକାବିଲାରେ କଳାହାଣ୍ଡିବାସୀ ଯେପରି ସାହସ ପ୍ରଦର୍ଶନ କରିଛନ୍ତି ସେଥିପାଇଁ ଜିଲ୍ଲାବାସୀ, ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡ଼ି କର୍ମୀମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଯୋଗଦେଇ କଳାହାଣ୍ଡିରେ କୋଭିଡ ହସ୍‌ପିଟାଲ ସହିତ ମେଡିକାଲ କଲେଜ, ଜଳସେଚନର ବିକାଶ ଆଦି ବ୍ୟାପକ ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଥିଲେ ଯେ କଳାହାଣ୍ଡିରେ କୋଭିଡ ମୁକାବିଲା ପାଇଁ ଦୁଇଟି ଅକ୍‌ସିଜେନ ପ୍ଲାଣ୍ଟ କରାଯାଇଛି, ହସ୍‌ପିଟାଲରେ ଭେଣ୍ଟିଲେଟର ବ୍ୟବସ୍ଥା କରାଯାଇଛି। ତେଣୁ କଳାହାଣ୍ଡିବାସୀ ଉନ୍ନତ କୋଭିଡ ଚିକିତ୍ସା ପାଇପାରିବେ। କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ସୁଜିତ୍‌ କୁମାର, ଧର୍ମଗଡ ଓ ଲାଞ୍ଜିଗଡର ବିଧାୟକ ଯୋଗଦେଇ କୋଭିଡ ହସ୍‌ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।