ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ଜରିଆରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଝାରସୁଗୁଡ଼ା ଜିଲ୍ଲାରେ ଲିକୁଇଡ ମେଡିକାଲ ଅକ୍ସିଜେନର ସଂରକ୍ଷଣ ଏବଂ ବଣ୍ଟନ ବ୍ୟବସ୍ଥା, ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନର ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥା ଏବଂ ରାଜପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଗୃହ ପାଇଁ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ବରଗଡ଼ ସାଂସଦ ସୁରେଶ ପୂଜାରୀ, ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତି, ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ ପ୍ରମୁଖଙ୍କ ସହ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି ସାରା ଓଡିଶାରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରି ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଆଜି ଝାରସୁଗୁଡାରେ ଅମ୍ଳଜାନ ପ୍ଲାଣ୍ଟର ଶିଳାନ୍ୟାସ ପରେ ଆଗାମୀ ଦିନରେ ଝାରସୁଗୁଡାବାସୀଙ୍କ ପାଇଁ ଅମ୍ଳଜାନର ଅଭାବ ରହିବ ନାହିଁ। ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ କରୋନାର ତୃତୀୟ ଲହରର ମୁକାବିଲା ପାଇଁ ରାଜ୍ୟର ସ୍ୱାସ୍ଥ୍ୟ ବିଭାଗ ପ୍ରସ୍ତୁତ ରହିଛି। ସମସ୍ତ ହସ୍ପିଟାଲ ଗୁଡିକରେ ଆଇସିୟୁ ବେଡ, ଏଚଡିୟୁ ବେଡ ମହଜୁଦ ରହିଛି। ଡାକ୍ତର, ସ୍ୱାସ୍ଥ୍ୟକର୍ମୀଙ୍କୁ ଟ୍ରେନିଂ ପ୍ରଦାନ କରାଯାଇଛି। ଆଗାମୀ ଦିନରେ ପ୍ରତିଦିନ ୩ ଲକ୍ଷ ଲୋକଙ୍କୁ ଟିକାକରଣ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି। ଏହାସହ ରାଜ୍ୟ ସରକାରଙ୍କ ସମସ୍ତ ଗାଇଡଲାଇନ ପାଳନ କରି କରୋନାକୁ ଓଡିଶାବାସୀ ପରାଜିତ କରିବା ବୋଲି ଶ୍ରୀ ଦାସ କହିଛନ୍ତି।