ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବୁଧବାର ଅପରାହ୍ଣରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ। ବିନ୍ଦୁସାଗର ଠାରୁ ଆରମ୍ଭ କରି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଅନେକ ବିକାଶ କାର୍ଯ୍ୟ ହୋଇଥିବାରୁ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ ।
ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତିମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ ଏବଂ ପ୍ରକଳ୍ପ କାର୍ଯ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ ଆକର୍ଷିତ କରିବାରେ ଏହି ଯୋଜନା ଏକ ସଫଳ ଉଦ୍ୟମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି । ଐତିହ୍ୟ ନଗରୀ ଭୁବନେଶ୍ୱରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବରେ ବିକଶିତ କରିବା ଏବଂ ଭକ୍ତ ଓ ପର୍ଯ୍ୟଟକମାନଙ୍କ ପାଇଁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭବ ପ୍ରଦାନ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ । ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପାଣ୍ଡିଆନ, ପୁଲିସ କମିସନର ସୁଧାଂଶୁ ଷଡ଼ଙ୍ଗୀ, ପୂର୍ତ୍ତସଚିବ କିଷନ କୁମାର, ବିଏମସି କମିଶନର ପ୍ରେମଚାନ୍ଦ ଚୌଧୁରୀ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।