- ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ୱାରା ଏକ ଲକ୍ଷ ଦୁଗ୍ଧଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। ସୂଚନାଯୋଗ୍ୟ ଯେ, ଓମଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି।
ମୁଖ୍ୟମନ୍ତ୍ରୀ କହିଲେ ଯେ, ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି ଓ ସେମାନଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି।
ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ୫ଟି ଓ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ବୋଲି ପ୍ରକାଶ କରି ସେ କହିଲେ, ଏହାର ପ୍ରୟୋଗ ଦ୍ୱାରା ରାଜ୍ୟ ପ୍ରାଣୀସମ୍ପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି।
ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନ ଓ ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ବରଗଡ଼, ନବରଙ୍ଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ୱତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ବରଗଡରୁ ସତ୍ୟବତୀ ସାହୁ, ନବରଙ୍ଗପୁରରୁ ଖୋକନ ବିଶ୍ୱାସ ଓ କଟକରୁ ବିଜୟଲକ୍ଷ୍ମୀ ସ୍ୱାଇଁ ଆଲୋଚନାରେ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ କେ. ରଘୁ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିସନର ଆର.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଉପସ୍ଥିତ ଥିଲେ।