- ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୬୪,୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ (ପିଭିଟିଜି) ୫୦୦୦ ଟଙ୍କା ଲେଖାଏଁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କୋଭିଡ ସହାୟତା’ ପ୍ରଦାନ କରିଛନ୍ତି। ଦ୍ୱିତୀୟ ଲହରରେ ଏହି ଆଦିମ ଜନଜାତି ପରିବାରକୁ ଆର୍ôଥକ ସୁରକ୍ଷା ଦେବା ପାଇଁ ଏହି ସହାୟତା ପ୍ରଦାନ କରାଯାଇଛି। ଏହି ରାଶି ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଛି।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ‘ମୁଁ ଜାଣେ କରୋନା ଯୋଗୁଁ ଗରିବ ଲୋକଙ୍କ ରୋଜଗାର ଉପରେ ପ୍ରଭାବ ପଢିଛି। ଏ ବିପଦ ସମୟରେ ଆପଣମାନେ ଏକା ନୁହନ୍ତି । ଆପଣଙ୍କ ସାଥିରେ ସରକାର ଅଛନ୍ତି। ଆପଣଙ୍କ କଲ୍ୟାଣ ପାଇଁ ସରକାର କାମ କରୁଛି।’
ସୂଚନାଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ୧୬୭୯ଟି ପିଭିଟିଜି ଗାଁ ରହିଛି। କୋଭିଡ ସମୟରେ ରାଜ୍ୟ ସରକାର ମାସ୍କ ସାନିଟାଇଜର ଓ ସାବୁନ ବଣ୍ଟନ ସହିତ ସଙ୍ଗରୋଧ କେନ୍ଦ୍ର ଏବଂ ଟିକାକରଣକୁ ପ୍ରାଥମିକତା ଦେଇ କୋଭିଡ ପରିଚାଳନା କରୁଛନ୍ତି। ପିଭିଟିଜି ଜନଜାତିଙ୍କ ମଧ୍ୟରୁ ୩୧୪ ଜଣ କରୋନା ପୀଡ଼ିତ ହୋଇଥିଲେ। ପିଭିଟିଜି ଗାଁରେ ୧୮ ଟି ଆମ୍ବୁଲାନ୍ସ ସହିତ କୋଭିଡ ପରିଚାଳନାକୁ ତ୍ୱରାନ୍ୱିତ କରାଯାଇଛି।
ସେହିପରି ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ବୃତ୍ତି ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କରୋନା ଯୋଗୁଁ ପିଲାମାନେ ଗତ ଏକ ବର୍ଷରୁ ଅଧିକ ସମୟ ହେଲା ହଷ୍ଟେଲ ଛାଡି ଘରେ ଅଛନ୍ତି। ‘ମୁଁ ଆଶା କରୁଛି ତୁମେମାନେ ଘରେ ମଧ୍ୟ ନିଜ ପାଠ ପ୍ରତି ଧ୍ୟାନ ଦେବ। ତୁମ ପରିବାର, ଗାଁ, ସମାଜକୁ ବିକାଶ ସହ ଯୋଡି ପରିବର୍ତ୍ତନର ସାରଥି ହୁଅ।’
ଆଜି ମଧ୍ୟ ୬୦,୦୦୦ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କୁ ଏପ୍ରିଲ, ମେ’ ଓ ଜୁନ ମାସ ପାଇଁ ଏକକାଳୀନ ପ୍ରାକ ମାଟ୍ରିକ ଛାତ୍ରବୃତ୍ତି ଦିଆଗଲା। ଏହା ପିଲାଙ୍କ ବାପା ମା ‘ ଙ୍କ ବ୍ୟାଙ୍କ ଖାତାରେ ଜମା ହେଲା। ଝିଅ ମାନଙ୍କ ପାଇଁ ୨୪୦୦ ଟଙ୍କା ଓ ପୁଅ ମାନଙ୍କ ପାଇଁ ୨୨୫୦ ଟଙ୍କା ଦିଆଗଲା। ସମୁଦାୟ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହି ସୁବିଧା ପାଇବେ। ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ କୋଭିଡ ଯୋଗୁଁ ଆଗୁଆ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଏହି ସହାୟତା ଦ୍ୱାରା ଜନଜାତି ସମୁଦାୟଙ୍କ ଆର୍ôଥକ, ସାମାଜିକ ବିକାଶ ହେବା ସହିତ ସେମାନଙ୍କ ମନୋବଳ ମଧ୍ୟ ବୃଦ୍ଧି ପାଇବ। ଚିତ୍ରକୋଣ୍ଡା ଓ କରଞ୍ଜିଆର ବିଧାୟକ ମଧ୍ୟ ଉପସ୍ଥିତ ରହି ସେମାନଙ୍କର ମତବ୍ୟକ୍ତ କରିଥିଲେ।