ଦେବଗଡ଼,ଏନ୍ଏନ୍ଏସ୍: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗ ପକ୍ଷରୁ ଜିଲ୍ଲା ଯୋଜନା କମିଟି ବୈଠକ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାରେ ପର୍ଯ୍ୟଟନର ବିକାଶ ପାଇଁ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ପ୍ରସ୍ତାବକୁ ମନ୍ତ୍ରୀ ମୋହର ମାରିଥିବାବେଳେ ଜିଲ୍ଲାର ଏସଏଚଜି ମହିଳାଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ମିଶନ ଶକ୍ତି ଗୃହ ଓ ଭବନର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏହାସହ ବିଧାୟକ ପାଣ୍ଠିର ବିନିଯୋଗ ନେଇ ନିର୍ଦ୍ଧାରିତ ଗାଇଡଲାଇନ ଅନୁଯାୟୀ ୪୫ ଦିନ ମଧ୍ୟରେ ଖର୍ଚ୍ଚ କରିବାକୁ ପରାମର୍ଶ ଦେଇଥିଲେ। ସେହିପରି ଜିଲ୍ଲାର ଗ୍ରାମାଞ୍ଚଳର ରାସ୍ତା, ପୋଲ ଓ ଅନ୍ୟାନ୍ୟ ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ କୌଶିକ କୁମାର ପ୍ରଧାନ, ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ, ବନଖଣ୍ଡ ଅଧିକାରୀ ମଗର ଧନାଜି ରାଓସ ଓ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଲୁକାଶ ପ୍ରଧାନ ପ୍ରମୁଖ ମଞ୍ଚାସିନ ଥିଲେ ।