ଦୁଇଦିନ ବଜ୍ରପାତ, ୨୩ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରବିବାର ଓ ସୋମବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ। ସେହିପରି ୨୩ ତାରିଖ ଅପରାହ୍ଣ ପରଠାରୁ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୨ ତାରିଖରେ ମୟୂରଭଞ୍ଜ, କଟକ, କନ୍ଧମାଳ,ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ।

ଏହି ଜିଲ୍ଲାମାନଙ୍କୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଆଶଙ୍କା କରାଯାଉଛି। ସେହିପରି ୨୩ ତାରିଖରେ ମଧ୍ୟ ମଧ୍ୟ ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ।

ସେହିଦିନ ଉତ୍ତର ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ମାଲକାନଗିରି,କୋରାପୁଟ, ଗଜପତି ଓ ମୟୂରଭଞ୍ଜ ଭଳି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ବାବନା ରହିଥିବା ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।  ସେହିପରି ଆସନ୍ତା ୨୪ ତାରିଖକୁ ବର୍ଷାର ପରିମାଣ ଓ ପ୍ରଭାବ ଧିରେଧିରେ ବଢ଼ିବ। ବିଶେଷକରି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ, ବୌଦ୍ଧ, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ କହିଛି।

୨୫ ତାରିଖ ବେଳକୁ ବର୍ଷାର ଆକାର ବଢ଼ିବା ସହ ପ୍ରାୟ ଅର୍ଦ୍ଧାଧିକ ଓଡ଼ିଶାକୁ ଭିଜେଇବ ବୋଲି ପାଣିପାଗ ବିଜ୍ଞାନୀମାନେ ଆଶଙ୍କା ପ୍ରକାଶ କରିଛନ୍ତି। ଗଜପତି, ନୟାଗଡ଼, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି।