ଅମ୍ପାନର ପ୍ରଭାବରେ ପ୍ରବଳ ବର୍ଷା ଜାରି, ୧୩ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ବାତ୍ୟା ଅମ୍ପାନର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ତେବେ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଭୀଷଣ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ାରେ ଜୋରଦାର ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନୟାଗଡ଼, ବାଲେଶ୍ୱର, ଭଦ୍ରକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସକାଳ ୫ଟା ୩୦ ଯାଏଁ ପ୍ରବଳ ବର୍ଷା ହେବା ନେଇ ଏସଆରସି ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଆଜି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ପୁରୀ ଓ ଯାଜପୁର ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ ଆଇଏମଡି ପକ୍ଷରୁ ପରାମର୍ଶ ଦିଆଯାଇଛି।