ଆଇଏଚ୍‌ଏସ୍‌କୁ ମିଳିଲା ସ୍ୱୟଂଶାସିତ ମହାବିଦ୍ୟାଳୟ ମାନ୍ୟତା, ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସ(ଆଇଏଚ୍‌ଏସ୍‌) ପରିଦର୍ଶନ କରିବା ଅବସରରେ ଏହି ଅନୁଷ୍ଠାନକୁ ସ୍ୱୟଂଶାସିତ ମହାବିଦ୍ୟାଳୟ ଭାବରେ ଘୋଷଣା କରିଛନ୍ତି । ଏହି ପ୍ରତିଷ୍ଠାନକୁ ୟୁନିଭରସିଟି ଗ୍ରାଣ୍ଟ୍ କମିଶନ(ୟୁଜିସି) ସ୍ୱତନ୍ତ୍ର ବର୍ଗରେ ଅଟୋନୋମସ କଲେଜ ଭାବରେ ମାନ୍ୟତା ପ୍ରଦାନ କରିଛି ବୋଲି ସେ କହିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଗସ୍ତ କାଳରେ କ୍ୟାମ୍ପସ ପରିସରରେ ଦିବ୍ୟାଙ୍ଗ ଶିଶୁଙ୍କ ପାଇଁ ଥିବା ମଡେଲ୍ ସେଣ୍ଟର, ଇଣ୍ଟିଗ୍ରେଟେଡ୍ ରିହାବିଲିଟେସନ ସେଣ୍ଟର, କ୍ଲିନିକ୍ ବ୍ଲକ, ଏକାଡେମିକ ବ୍ଲକ୍‌, ବାଲମୁକୁନ୍ଦ ରେହାବ ହସ୍ପିଟାଲ ବୁଲି ଦେଖିବା ସହ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଏବଂ ପ୍ରଶିକ୍ଷକଙ୍କୁ ଭେଟିଥିଲେ । ସେ କହିଛନ୍ତି, ଆଜି ମୋ ପାଇଁ ଏକ ସ୍ମରଣୀୟ ଦିନ । ଶିକ୍ଷାନୁଷ୍ଠାନର ଅନୁକୂଳଯୁକ୍ତ ଶୈକ୍ଷିକ ବାତାବରଣରେ ଦିବ୍ୟାଙ୍ଗଙ୍କୁ ଗୁଣାତ୍ମକ ଶିକ୍ଷା ସହ ବିଭିନ୍ନ ଚିକିତ୍ସା, ଥେରାପି ସହ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଉଦ୍ୟମ ଖୁବ୍ ପ୍ରଶଂସନୀୟ । ଆଜି ଏହି ଶିକ୍ଷାନୁଷ୍ଠାନକୁ ଆସି ଦିବ୍ୟାଙ୍ଗ ମାନଙ୍କୁ ଭେଟି ଭଗବାନଙ୍କୁ ପୂଜା କରିବା ଠାରୁ ଅଧିକ ସୌଭାଗ୍ୟ ମିଳିଲା ।

ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଅଞ୍ଚଳରେ ଏକ ଉତ୍କର୍ଷ କେନ୍ଦ୍ର ଭାବେ ପରିଣତ ହେଉଥିବା ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସକୁ ୟୁଜିସି ବିଶେଷ ବର୍ଗରେ ସ୍ୱୟଂଶାସିତ ମହାବିଦ୍ୟାଳୟ ପାଇଁ ମାନ୍ୟତା ପ୍ରଦାନ କରାଯିବା ଖୁସିର ବିଷୟ । ଏଣିକି ଏହି ଅନୁଷ୍ଠାନ ନିଜସ୍ୱ ପାଠ୍ୟକ୍ରମ, ପରୀକ୍ଷା ପଦ୍ଧତି ସହ ସାର୍ଟିଫିକେଟ୍ ପ୍ରଦାନ କରିବ । ଏହି ଅନୁଷ୍ଠାନ ସହ ମେଧାବୀ ଓଡ଼ିଆ ପିଲାମାନେ ଯୋଡ଼ି ହେଉଛନ୍ତି । ଏହାର ଅର୍ଥ ଏହି ପାଠ୍ୟକ୍ରମ ପ୍ରତି ପିଲାଙ୍କ ମଧ୍ୟରେ ସମ୍ବେଦନଶୀଳତା ଅଛି । ଦିବ୍ୟାଙ୍ଗଙ୍କ ପାଠପଢ଼ାକୁ ସୁଗମ କରିବା ସହ ସମାଜରେ ମୌଳିକ ଆବଶ୍ୟକତା ପୂରଣ କରିବା ପାଇଁ ଦାୟିତ୍ୱ ନେବା ପାଇଁ ପଡ଼ିବ । ଦୀର୍ଘ ୨୫ବର୍ଷ ଧରି ଦିବ୍ୟାଙ୍ଗ ମାନଙ୍କୁ ପାଠ ପଢାଇବା ସହ ମଣିଷ ତିଆରି କାମରେ ଲାଗିଥିବା ଏହି ଅନୁଷ୍ଠାନକୁ ଆଗକୁ ନେବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ପ୍ରଥମ ଥର ପାଇଁ ଦିବ୍ୟାଙ୍ଗଙ୍କ ପରିଭାଷା ବଦଳାଇଛନ୍ତି । ମୋଦୀ ସରକାରରେ ଦିବ୍ୟାଙ୍ଗଙ୍କୁ ଉଚିତ୍ ସମ୍ମାନ ମିଳିଛି । ବିଶେଷ ଭାବରେ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ହେବା ପରେ ଏହା ଉପରେ ଧ୍ୟାନ ଦେବା ଭାରତ ସରକାରଙ୍କ ପ୍ରାଥମିକତାର ବିଷୟ ହୋଇଛି । ଏହି ଅନୁଷ୍ଠାନରେ ଅଧ୍ୟୟନରତ ଦିବ୍ୟାଙ୍ଗଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ବ୍ୟତିତ ସମ୍ମାନର ସହ କୁଶଳୀ କରି ସେମାନଙ୍କୁ ରୋଜଗାର ବ୍ୟବସ୍ଥା ସହ ଯୋଡ଼ିବା ପାଇଁ ବ୍ୟବସ୍ଥା କରାଯିବ । ଶିକ୍ଷକଙ୍କୁ ପ୍ରଶିକ୍ଷଣ ସହ ଭିତ୍ତିଭୂମିର ବିକାଶ ଦିଗରେ ଗୁରୁତ୍ୱ ଦିଆଯିବ । ଏହି ଅନୁଷ୍ଠାନକୁ ଆଗାମୀ ଦିନରେ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ ପ୍ରଚେଷ୍ଟା କରାଯିବ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି ।