ରାଇଘରରେ ବ୍ଲକସ୍ତରୀୟ ଯୁଗ୍ମ ଜନ ଶୁଣାଣୀ ଶିବିର

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ନବରଙ୍ଗପୁର ଜିଲ୍ଲା ରାଇଘର ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭାଗୃହରେ ବ୍ଲକସ୍ତରୀୟ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୨ଜଣଙ୍କ ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ୧୮ଟି ଗୋଷ୍ଠୀଗତ ଓ ୨୪ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା । ଏଥିରେ ରାସ୍ତା ନିର୍ମାଣ, ପାନୀୟ ଜଳର ସୁବିଧା ପାଇଁ ଆବଶ୍ୟକ ନଳକୂପ ଖନନ, ଭତ୍ତା, ଚାକିରିରେ ପୁନଃଅବସ୍ଥାପିତ ଓ ଜମି ବିବାଦ ସଂକ୍ରାନ୍ତୀୟ ଅଭିଯୋଗର ଶୁଣାଣୀ କରାଯାଇ ଏହାର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ଗୋଟିଏ ହୁଇଲ ଚେୟାର, ୨ଟି ଆଶା ବାଡ଼ି, ୩ଟି ଶ୍ରବଣ ଯନ୍ତ୍ର ଓ ୨ଟି ଅନ୍ଧ ବାଡ଼ି ଜିଲ୍ଲାପାଳ ଶ୍ରୀ ମିଶ୍ରଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅନ୍ୟା ଦାସ, ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ,ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଅଧିକ୍ଷଣ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବିଭାଗ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ୱର୍ଣ୍ଣଲତା ବିଶ୍ୱାସଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ପଞ୍ଚାୟତ ସମିତି ଅଧ୍ୟକ୍ଷ ନବୀନା ନାୟକ, ଜିଲ୍ଲା ପରିଷଦ ସଭ୍ୟସଭ୍ୟା ଓ ତହସିଲଦାର ବ୍ଲକ୍ କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ ।