କାନପୁର,ଏଜେନ୍ସି: ଉତ୍ତର ପ୍ରଦେଶର କାନପୁରର ସଂଚଡୀ ଥାନା ଅଞ୍ଚଳରେ ମଙ୍ଗଳବାର ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁର୍ଘଟଣା ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଆହତମାନଙ୍କର ଚିକିତ୍ସା ମାଗଣାରେ ଯୋଗାଇ ଦେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏକ ଘରୋଇ ବସ (ଶତାବ୍ଦୀ) ଓ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ମିଳିବା ପରେ ପୁଲିସ ଘଟଣାସ୍ଥଳକୁ ପହଞ୍ଚିଥିଲା। ଆହତମାନଙ୍କୁ ଆମ୍ବୁଲାନ୍ସରେ ହସ୍ପିଟାଲ ନିଆଯାଇଥିଲା। ବସ୍ ମାଡ଼ି ଯିବାରୁ ଅଟୋରେ ଥିବା ଯାତ୍ରୀମାନେ ଚାପି ହୋଇଯାଇଥିଲେ।
ଏନେଇ ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ କରି ଦୁଃଖ ପ୍ରକାଶ କରିବା ସହ କହିଛନ୍ତି କି, କାନପୁରରେ ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ। ଏହି ଦୁର୍ଘଟଣା ଯୋଗୁଁ ଅନେକ ଲୋକଙ୍କୁ ଜୀବନ ହରାଇବାକୁ ପଡ଼ିଛି। ଆହତମାନେ ଶୀଘ୍ର ଆରୋଗ୍ୟଲାଭ କରନ୍ତୁ ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ମଧ୍ୟ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି।