ଦେଶ ବିଦେଶରେ ମହକିବ ‘କୋରାପୁଟ କଫି’: କଫି’ର ବିକ୍ରି ପାଇଁ ‘ଟାଟା କଫି’ର ସହମତି
କୋରାପୁଟ କସମପଦର ଗାଁର ସଫଳ କଫି ଚାଷୀ ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,ଏନ୍ଏନ୍ଏସ୍: କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା ‘କୋରାପୁଟ କଫି’ ଦେଶବିଦେଶର କୋଣ ଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି। ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ ‘କୋରାପୁଟ କଫି’ର ବିକ୍ରିବଟା ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି। ଏହାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ଉପରେ ଗୁରୁତ୍ୱ ଦେଇ ‘ଟାଟା କଫି’ ପ୍ରଥମ ଥର ପାଇଁ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି।
କୋରାପୁଟରେ କଫି ଚାଷକୁ ବ୍ୟାପକ ଏବଂ ସମୃଦ୍ଧ କରିବାରେ କଫି ଚାଷୀଙ୍କ ଅବଦାନକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କସମପଦର ଗାଁ’ର ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, “ଟିଡିସିସିଓଏଲକୁ ୨୦୦ କେଜିରୁ ଊର୍ଦ୍ଧ୍ଵ କଫି ଫଳ ବିକ୍ରି କରି ସୁଲୋଚନା ଖର ସଫଳ କଫି ଚାଷୀ ଭାବେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି। ‘କୋରାପୁଟ କଫି’ର ଚାହିଦା ପୂରଣରେ ତାଙ୍କ ପରି ଚାଷୀଙ୍କ ନିଷ୍ଠା ଓ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ।
“କଫି ଚାଷୀ’ଙ୍କ ଆର୍ଥିକ-ସାମାଜିକ ଉନ୍ନତି ପାଇଁ ରାଜ୍ୟ ସରକାର କରୁଥିବା ପ୍ରୟାସରେ ‘ଟାଟା କଫି’ର ସହଯୋଗ ସେମାନଙ୍କ କଲ୍ୟାଣରେ ସହାୟକ ହେବ। କୋଭିଡ ସଙ୍କଟ ସମୟରେ ଆଦିବାସୀଙ୍କ ଜୀବନଜୀବିକା ସୁରକ୍ଷିତ କରିବାରେ ଏହା ବଡ଼ ଗୁରୁତ୍ୱ ବହନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
