ଶେଷ ହେଲା ପ୍ରଥମ ପର୍ଯ୍ୟାୟ: ଆଜି ୬ଟି ଜିଲ୍ଲାର ୨୪୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ  

ଭୁବନେଶ୍ୱର,ଏନ୍ଏନ୍ଏସ୍: ଅଗଷ୍ଟ ମାସରୁ ହିଞ୍ଜିଳିକାଟୁରୁ ଆରମ୍ଭ ହୋଇଥିବା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଲୋକାର୍ପଣ ପର୍ବ ଆଜି ଯାଜପୁର ବିରଜା ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କ ଚିତାକର୍ଷକ ସାଂକୃତିକ କାର୍ଯ୍ୟକ୍ରମ ଓ ଆତସବାଜି ପ୍ରଦର୍ଶନ ମଧ୍ୟରେ ଶେଷ ହୋଇଛି। ପ୍ରଥମ ପର୍ଯାୟରେ ସାରା ରାଜ୍ୟରେ ୩୦ଟି ଜିଲ୍ଲାରେ ୧୦୭୮ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବିଜୁ ବାବୁଙ୍କ ଜୟନ୍ତୀ ୨୦୨୨ ମାର୍ଚ୍ଚ ସୁଦ୍ଧା ୩୩୦୦ ସ୍କୁଲର ରୂପାନ୍ତରଣ ଲକ୍ଷ୍ୟ ରଖାଯାଇଛି।

ଆଜି କୋରାପୁଟ, ଗଜପତି, ଢେଙ୍କାନାଳ, ଅନୁଗୁଳ ବରଗଡ ଓ ଯାଜପୁର ଜିଲ୍ଲାର ୨୪୦ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପିଲାମାନେ ଦେଖିଥିବା ସ୍ବପ୍ନକୁ ସାକାର କରିବାରେ ସହଯୋଗ କରିବା ହେଉଛି ଆମ ସମସ୍ତଙ୍କର ମିଳିତ ଦାୟିତ୍ବ ଏବଂ ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ହେଉଛି ଏ ଦିଗରେ ସମସ୍ତଙ୍କର ମିଳିତ ସହଯୋଗର ସର୍ବଶ୍ରେଷ୍ଠ ପ୍ରଦର୍ଶନ। ଏହି ଅବସରରେ ସମବେତ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନରେ ସ୍ବପ୍ନ ହିଁ ଆଗକୁ ବାଟ ଦେଖାଇଥାଏ। ବଡ ବଡ ସ୍ବପ୍ନ ଦେଖିବା ସହିତ ତାକୁ ପୂରଣ କରିବା ପାଇଁ ଅହରହ ଚେଷ୍ଟା ଜାରି ରଖିବା ହେଉଛି ଜୀବନର ସାର୍ଥକତା।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ ଜ୍ଞାନକୌଶଳ ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଆହ୍ବାନକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

ମୁଖ୍ୟମନ୍ତ୍ରୀ କହିଲେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି। ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ। ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫-ଟି ସ୍କୁଲ ରୂପାନ୍ତରଣ ଉପରେ Task Force Recommendlationର knowledge paper ଉନ୍ମୋଚନ କରିଥିଲେ। ଏଥିରେ ରୂପାନ୍ତରିତ ସ୍କୁଲ ମାନଙ୍କର ରକ୍ଷଣାବେକ୍ଷଣ ଓ ପରିଚାଳନା ସଂପର୍କରେ ବିଶେଷ ନିର୍ଦ୍ଦେଶାବଳୀ ସନ୍ନିବେଶିତ ହୋଇଛି।