ମିଶନ ଶକ୍ତି ମା’ମାନଙ୍କୁ ସଫଳ ଉଦ୍ୟୋଗୀ କରିବା ଆମର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟର ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ ବ୍ୟବସ୍ଥା ଲାଗୁ ହେବ । ପୂର୍ବରୁ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଥିଲା । ଏହାକୁ ଏକ ଯୁଗାନ୍ତକାରୀ ପଦକ୍ଷେପ ରୂପେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହାଦ୍ୱାରା ଆମ ମିଶନ ଶକ୍ତି ମା’ମାନେ ଏସଏଚଜିରୁ ଏସଏମଇ ବା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ ଏବଂ ଆମର ଲକ୍ଷାଧିକ ମା’ମାନେ ଅଧିକ ଟଙ୍କାର ଋଣ ନେଇ ବଡ଼ ବଡ଼ ବ୍ୟବସାୟ କରିପାରିବେ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ଓଡ଼ିଶାର ରୂପାନ୍ତର କ୍ଷେତ୍ରରେ ମା’ମାନେ ହେଉଛନ୍ତି ଏକ ଅଭିନ୍ନ ଅଙ୍ଗ । ଆଜିର ଏହି ନିଷ୍ପତ୍ତି ସେମାନଙ୍କୁ ସଶକ୍ତ ଓ ସ୍ଥାନୀୟ ଅର୍ଥନୀତିକୁ ପ୍ରୋତ୍ସାହିତ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ । ଆଗାମୀ ୫ ବର୍ଷ ମଧ୍ୟରେ ମିଶନ ଶକ୍ତି ଗ୍ରୁପଙ୍କୁ ପ୍ରାୟ ୫୦ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବାପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ଏହାଦ୍ୱାରା ସେମାନେ ସଫଳ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ।

ମହିଳା ସଶକ୍ତିକରଣ ଦିଗରେ ମିଶନ ଶକ୍ତିକୁ ଏକ ଅଭିନବ ଉଦ୍ୟମ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ୭୦ ଲକ୍ଷ ମା’ମାନଙ୍କୁ ୬ ଲକ୍ଷ ସେଲ୍ଫ ହେଲ୍ପ ଗ୍ରୁପ ଜରିଆରେ ଏକାଠି କରିପାରିଛି । ଏହି ଆନ୍ଦୋଳନକୁ ଆହୁରି ଆଗକୁ ନେବା ପାଇଁ ତାଙ୍କ ସରକାର ସ୍ୱତନ୍ତ୍ର ଭାବରେ ମିଶନ ଶକ୍ତି ବିଭାଗ ଗଠନ କରିଛନ୍ତି ଏବଂ ସବୁ ଏସଏଚଜି କାର୍ଯ୍ୟକ୍ରମ ଏହି ବିଭାଗ ଜରିଆରେ ହିଁ କାର୍ଯ୍ୟକାରୀ କରାଯାଉଛି ।

ସୂଚନାଯୋଗ୍ୟ, ୨୦୨୦ ଜୁନ୍ ୧ ତାରିଖରେ ମିଶନ ଶକ୍ତି ବିଭାଗ ପ୍ରତିଷ୍ଠା କରାଯାଇ ରାଜ୍ୟର ସବୁ ଏସଏଚଜି କାର୍ଯ୍ୟକ୍ରମକୁ ଗୋଟିଏ ବିଭାଗ ଅଧୀନରେ ରଖାଯାଇଥିଲା ।