ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରହିବ ମୌସୁମୀର ପ୍ରଭାବ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ପ୍ରଭାବ ଦେଖିବାକୁ ମିଳିବ। ସେଥିଲାଗି ୧୪ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଆଜି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏଣୁ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ବର୍ଷା ସହ ଘଡଘଡି ରହୁଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ସମ୍ଭାବନା ଲାଗି ଭୁବନେଶ୍ୱରରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ ବୋଲି କୁହାଯାଇଛି।