ରାଜ୍ୟରେ ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର,ଏନ୍ଏନ୍ଏସ୍: ସମଗ୍ର ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ଜୁନ୍ ୨୨ ତାରିଖ ସକାଳ ସୁଦ୍ଧାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପ୍ରବଳ ବର୍ଷା ନେଇ ରାଜ୍ୟରେ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସମ୍ବଲପୁର, ଅନୁଗୁଳ, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ସହ ପାଖାପାଖି ୧୭.୩ ମିମି ବର୍ଷା ରେକର୍ଡ ହୋଇଛି। ଯାହା ଗତ ୨୪ ଘଣ୍ଟାର ସ୍ୱାଭାବିକ ବର୍ଷା ୯.୨ ମିମି ତୁଳନାରେ ୮୮% ଅଧିକ ରହିଛି।

୨୨ ତାରିଖରୁ ୨୫ ତାରିଖ ମଧ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଜଗତସିଂହପୁର, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ, ଖୋର୍ଦ୍ଧା, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ପୁରୀ ଏବଂ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।