ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟ ସରକାରଙ୍କ ପକ୍ଷରୁ ବିଶାଖାପାଟଣାରେ ଖୋଲାଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’(patients facilation center)ର ଅବଧିକୁ ରାଜ୍ୟ ସରକାର ଆଉ ବର୍ଷେ (୨୦୨୩-୨୪) ପାଇଁ ବୃଦ୍ଧି କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହାଦ୍ୱାରା ମାଲକାନଗିରିରୁ ବିଶାଖାପାଟଣାକୁ ଯାଉଥିବା ଗରିବ ଓ ଆଦିବାସୀଙ୍କ ଚିକିତ୍ସା କ୍ଷେତ୍ରରେ ସୁବିଧା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ବିଶାଖାପାଟଣାରେ ରାଜ୍ୟ ସରକାର ୨୦୧୬ ମସିହାରୁ ଏକ ରୋଗୀ ସହାୟତା କେନ୍ଦ୍ର ସ୍ଥାପନ କରିଛନ୍ତି। ବିଶାଖାପାଟଣା ମାଲକାନଗିରି ଜିଲ୍ଲାର ଅତି ନିକଟରେ ଥିବାରୁ ଏବଂ ସେଠାରେ ଉଚ୍ଚକୋଟୀର ଚିକିତ୍ସା ସୁବିଧା ମିଳୁଥିବାରୁ ଜିଲ୍ଲାରୁ ଅଧିକାଂଶ ରୋଗୀ ଚିକିତ୍ସା ପାଇଁ ସେଠାକୁ ଯାଇଥାନ୍ତି । ରୋଗୀ ସହାୟତା କେନ୍ଦ୍ରରେ ସେମାନଙ୍କୁ ବିନା ମୂଲ୍ୟରେ ରହିବା ଓ ଖାଇବାର ସୁବିଧା ମିଳିପାରୁଛି । ୨୦୧୬ରୁ ୨୦୨୨ ମଧ୍ୟରେ ରାଜ୍ୟ ସରକାର ଏହି ସହାୟତା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ୨୦୧୬ରେ ୨୫ ଲକ୍ଷ ଟଙ୍କା ଏବଂ ୨୦୨୦, ୨୦୨୧ ଓ ୨୦୨୨ ରେ ୧୦ ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଛି ।