ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦ୍ୱିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏହାଦ୍ୱାରା ଦୁଇଟି ପର୍ଯ୍ୟାୟରେ ସମୁଦାୟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୦୭୫ ଟି ସ୍କୁଲ ରୂପାନ୍ତରିତ ହୋଇଥିବା ବେଳେ, ଦ୍ୱିତୀୟ ପର୍ଯ୍ୟାୟରେ ୨୯୦୬ଟି ସ୍କୁଲର ରୂପାନ୍ତରଣ ହୋଇଛି । ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ । ଏହା ପିଲା ମାନଙ୍କର ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି । ପିଲାଙ୍କ ଆତ୍ମବିଶ୍ୱାସ ବୃଦ୍ଧି ପାଇଛି । ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ସ୍କୁଲ ରୂପାନ୍ତର ବାସ୍ତବରେ ଓଡିଶାର ଭବିଷ୍ୟତର ରୂପାନ୍ତର ପାଇଁ ମୂଳଦୁଆ ପକାଇଛି ବୋଲି ସେ କହିଥିଲେ । ପିଲାଙ୍କ ଭିତରେ ମୁଁ ଭବିଷ୍ୟତ ଓଡିଶା ର ଝଲକ ଦେଖିପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସେହିପରି ପିଲାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ଅତ୍ୟନ୍ତ ଉତ୍ସାହର ସହିତ ନିଜ ଭବିଷ୍ୟତର ସ୍ୱପ୍ନକୁ ଉପସ୍ଥାପିତ କରିଥିଲେ । ସେମାନଙ୍କ ଭିତରେ ଆତ୍ମବିଶ୍ୱାସ ଝରି ଉଠୁଥିଲା । ସେମାନେ କହିଥିଲେ ଯେ ଉନ୍ନତ ସୁବିଧା ସହିତ ମାଗଣା ବିଜୁଳି ଓ ଇଣ୍ଟରନେଟ୍ ସୁବିଧା ଯୋଗୁଁ, ଯେ କୌଣସି ବିଷୟରେ ସେମାନେ ତୁରନ୍ତ ଆବଶ୍ୟକୀୟ ତଥ୍ୟ ବା ଜ୍ଞାନ ପାଇପାରୁଛନ୍ତି । ସାରା ବିଶ୍ୱର ଜ୍ଞାନ ଏବେ ସେମାନଙ୍କ ହାତ ମୁଠାରେ । ତେଣୁ ରୂପାନ୍ତର ଯୋଗୁ ଏବେ ସ୍କୁଲ ସେମାନଙ୍କ ପାଇଁ ପ୍ରକୃତରେ ଏକ ଜ୍ଞାନ ମନ୍ଦିର ହୋଇପାରିଛି ବୋଲି ସେମାନେ କହିଥିଲେ. ସେମାନଙ୍କ ସ୍କୁଲ ଏବେ ଉତ୍କର୍ଷର କେନ୍ଦ୍ର ହୋଇଛି ବୋଲି ପିଲାମାନେ ମତ ଦେଇଥିଲେ । ଏହି ଅବସରରେ ଆଲୋଚନାରେ ଭାଗ ନେଇ କୋରାପୁଟରୁ ନିବେଦିତା, ଗଜପତିରୁ ରେଶମା, ସମ୍ବଲପୁରରୁ ଆକୃତି ବଲାଙ୍ଗୀରରୁ ଅଞ୍ଜନେୟ ଏହଂ ଯାଜପୁରରୁ ମନୀଷା ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାର ୯୫ଟି ହାଇସ୍କୁଲ, ଗଜପତିର ୩୧ଟି, ସମ୍ବଲପୁରର ୪୦ଟି, ବଲାଙ୍ଗୀରର ୧୦୦ଟି ଓ ଯାଜପୁରର ୧୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି ।
ଏହା ସହିତ ଦ୍ୱିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ଶେଷ ହୋଇଛି । ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ମଧ୍ୟ ପରିବର୍ତ୍ତନ ଆଣିଛି । ସେମାନେ ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ୱାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢୁଛନ୍ତି । ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ପ୍ରତ୍ୟେକ ପିଲା ସ୍ୱତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ୱପ୍ନ । ଜୀବନରେ କିଛି ବଡ କରିବାର ସ୍ୱପ୍ନ । ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ୱପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି ।
ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ । ପିଲାମାନଙ୍କ ସ୍ୱପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ । ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍? ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । ପିଲାମାନଙ୍କୁ ୫-ଟି ମହତ୍ତ୍ୱ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ୱଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଟେକ୍ନୋଲୋଜି ଦ୍ୱାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ୱ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍? ସମୟରେ କାର୍ଯ୍ୟ ଶେଷ ହୋଇଛି ।
ସେହିପରି ଟ୍ରାନ୍ସପ୍ୟାରେନ୍ସି ବା ସ୍ୱଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି । ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି । ଏହି ସ୍ୱଚ୍ଛତା ହେଉଛି ୫ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ । ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ, ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ବିଧାୟକ ଶ୍ରୀ ରଘୁରାମ ପଡଲ ଓ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି. ତିରୁପତି ରାଓ ପ୍ରମୁଖ ଉଦବୋଧନ ଦେଇ ସ୍କୁଲ ମାନଙ୍କର ଅନୁକୂଳ ପରିବେଶ ପିଲା ଓ ଅଭିଭାବକ ମାନଙ୍କ ଭିତରେ ଭରସା ସୃଷ୍ଟି କରିଛି ।
କାର୍ଯ୍ୟକ୍ରମ ପରିଚାଳନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ କହିଥିଲେ ଯେ ଦୁଇଟି ପର୍ଯ୍ୟାୟରେ ୩୯୮୧ଟି ହାଇସ୍କୁଲ ରୂପାନ୍ତରଣ ଶେଷ ହୋଇଛି. କୋଭିଡ ଓ ପଂଚାୟତ ନିର୍ବାଚନ ପରି ଆହ୍ୱାନ ମୂଳକ ସମୟ ସତ୍ୱେ ଏହା ସଫଳ ହୋଇ ଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଉନ୍ନୟନ କମିସନର ଶ୍ରୀ ପ୍ରଦୀପ ଜେନା ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ ।