ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୮ ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦଘାଟନ

ତୃତୀୟ ଲହରର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରୁହ– ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର (ପିଏସଏ ପ୍ଲାଣ୍ଟ)ର ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର ଉଦଘାଟନ କରିଛନ୍ତି। ଏହି ୮ଟି ଜିଲ୍ଲା ହେଉଛି– ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ଼, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜ।

ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ ୭ଟି ଓ ଆଜି ୮ଟି ପିଏସଏ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି। ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଥିଲେ। ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଥିବା ବେଳେ ଆମ ରାଜ୍ୟରେ ଏଥିପାଇଁ ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି। ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଲହରରେ ରୋଗୀଙ୍କ ଅକ୍ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି। ତେଣୁ ଆମର ସବୁ ହସ୍ପିଟାଲରେ ଅକ୍ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଶେଷରେ ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ୱାସ ପ୍ରକଟ କରିଛନ୍ତି।

ଏହି ଅବସରରେ ମନ୍ତ୍ରୀ ନବ ଦାସ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ସମୀର ଦାଶ, ମନ୍ତ୍ରୀ ରଘୁନନ୍ଦନ ଦାସ, ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।