- ଭୁବନେଶ୍ୱର,ପୁରୀ: ଚଳିତ ବର୍ଷ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ରଥଯାତ୍ରା ପ୍ରସ୍ତୁତିକୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଅନୁଷ୍ଠିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇ ଏବର୍ଷ ମଧ୍ୟ ଯେପରି ରଥଯାତ୍ରା କିପରି ସୁଚାରୁରୂପେ ପାଳିତ ହେବ ଏବଂ ଭକ୍ତମାନେ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ସେଥିପାଇଁ ପୁରୀ ସହରବାସୀ, ସେବାୟତଙ୍କର ସହଯୋଗ କାମନା କରିଥିଲେ।
ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତବର୍ଷ ଭଳି ଏ ବର୍ଷ ମଧ୍ୟ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତିରେ ହେବାକୁ ଯାଉଛି। ସାରା ବିଶ୍ୱ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଦର୍ଶନ କରିବେ। ତେଣୁ ମହାପ୍ରଭୁଙ୍କ ନୀତି ଠିକ ସମୟରେ ଶେଷ ହେବା ଦରକାର। ତା ସହିତ କୋଭିଡ ନିୟମକୁ ମଧ୍ୟ ଯାତ୍ରା ସମୟରେ ଠିକଭାବେ ପାଳନ କରାଯିବା ଜରୁରୀ।
କୋଭିଡ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଲେ, ଦ୍ୱିତୀୟ ଲହର କମିଆସୁଥିଲେ ମଧ୍ୟ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ।
ବୈଠକରେ ଯୋଗଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦିଆଯାଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି କହିଥିଲେ। ସେବାୟତ ଓ ସମସ୍ତ ସମ୍ପୃକ୍ତ ଅଧିକାରୀଙ୍କ ପାଇଁ କୋଭିଡ ଟେଷ୍ଟ, ଟିକାକରଣ ବ୍ୟବସ୍ଥା ସହିତ ଫାଷ୍ଟ ଏଡ କେନ୍ଦ୍ର, ଆମ୍ବୁଲାନ୍ସ ଏବଂ ପୁରୀ ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଜରୁରୀକାଳୀନ ଆବଶ୍ୟକତା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି କହିଥିଲେ। ଆଇନ ମନ୍ତ୍ରୀ ପ୍ରତାପ ଜେନା ଏ ବର୍ଷ ମଧ୍ୟ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ଆଶାବ୍ୟକ୍ତ କରିଥିଲେ। ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ବୋଲି ମହାନିର୍ଦ୍ଦେଶକ ଅଭୟ କୁମାର ଜଣାଇଥିଲେ। କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥଯାତ୍ରା ପାଇଁ କରାଯାଇଥିବା ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ। ପୁରୀ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟ) ଭି.କେ. ପାଣ୍ଡିଆନ ଆଲୋଚନା ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଉପସ୍ଥିତ ଥିଲେ।