ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ଆଇନମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ

ପୁରୀ,ଏନ୍ଏନ୍ଏସ୍: ଯୁଦ୍ଧକାଳୀନ ଭିତ୍ତିରେ ରଥଯାତ୍ରା ପାଇଁ ଚାଲିଛି ପ୍ରସ୍ତୁତି। ନୀଳାଚଳ ଭକ୍ତ ନିବାସ ଠାରେ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ, ଶ୍ରୀମନ୍ଦିର ପରିଚାଳନା କମିଟି ଉପାଧ୍ୟକ୍ଷ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲ୍ଲାପାଳ ବଲୱନ୍ତ ସିଂ, ଏସପି ଡାକ୍ତର ଉମାଶଙ୍କର ଦାଶ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ ସାହୁ, ବିନୟ ଦାସ, ଉପଜିଲ୍ଲାପାଳ ଭବତାରଣ ସାହୁ ଓ ରଥଯାତ୍ରା ସହିତ ସମ୍ପୃକ୍ତ ୨୨ଟି ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଭାଗୀୟ ଅଧିକାରୀମାନଙ୍କ ଦ୍ୱାରା ସେମାନଙ୍କ ବିଭାଗ ପକ୍ଷରୁ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଥିବା କୁହାଯାଇଥିଲା। ଅଧିକାରୀମାନେ କହିଥିଲେ ଯେ ରଥଯାତ୍ରା ପାଇଁ ସେମାନଙ୍କ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ।