ଶିଳ୍ପୀ ତଥା ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ କରୋନାରେ ପରଲୋକ

ଭୁବନେଶ୍ୱର, ଏନ ଏନ ଏସ: ବିଶିଷ୍ଟ  ଭାସ୍କର୍ଯ୍ୟ ଶିଳ୍ପୀ ତଥା ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ କରୋନାରେ ପରଲୋକ ଘଟିଛି। ଆଜି ଅପରାହ୍ନରେ ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଏ ନେଇ ଭୁବନେଶ୍ଵର ଏମ୍ସ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ଗତ ୨୨ ତାରିଖରେ ଏମ୍ସରେ ସେ ଭର୍ତ୍ତି ହୋଇଥିଲେ। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି।

ରଘୁନାଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ଵିଟ୍ କରି ଲେଖିଛନ୍ତି ଯେ, ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଶିଳ୍ପୀ ତଥା ସାଂସଦ ରଘୁନାଥ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।