ଭୁବନେଶ୍ୱର,ଏନ୍ଏନ୍ଏସ୍: ବୌଦ୍ଧରେ ନୂତନ ନନ୍ଦନବନ ସଫାରୀ ସହ ୩୭ଟି ପର୍ଯ୍ୟଟନ ସ୍ଥଳୀର ବିକାଶ କରାଯିବ। ଏଥିପାଇଁ ୨୦ କୋଟି ଟଙ୍କା ବ୍ୟୟ ହେବ। ସେହିପରି ସୋନ୍ପୁରରେ ଏମ୍ଏସ୍ଏମ୍ଇ ପାର୍କ ସହ ଶିଳ୍ପ ପ୍ରତିଷ୍ଠା ହେବ। ଉଭୟ ଜିଲ୍ଲାପାଇଁ ୭୮୩ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ହୋଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି।
ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ବୌଦ୍ଧ ଓ ସୋନପୁରକୁ ମିଶାଇ ବର୍ତ୍ତମାନସୁଦ୍ଧା ସ୍ମାର୍ଟ କାର୍ଡ଼ କାର୍ଯ୍ୟକ୍ରମରେ ରାଜ୍ୟର ୧୯ଟି ଜିଲ୍ଲାର ଜନସାଧାରଣ ସାମିଲ ହୋଇଛନ୍ତି। ସୋନପୁରର ୧ ଲକ୍ଷ ୫୦ ହଜାର ଲୋକ ଏହି ସୁବିଧା ପାଇବାବେଳେ ବୌଦ୍ଧର ୩ ଲକ୍ଷ ୭୨ ହଜାର ଲୋକ ସ୍ମାର୍ଟ କାର୍ଡ଼ ପାଇବେ। ମୁଖ୍ୟମନ୍ତ୍ରୀ କହିଥିଲେ, ସ୍ମାର୍ଟ ହେଲ୍ଥକାର୍ଡ଼ ଦ୍ୱାରା ଆମର ଗରିବ ଲୋକଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ୨୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।
ସୋନପୁର ପାଇଁ ମୁଖ୍ୟମନ୍ତ୍ରୀ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସୋନପୁରକୁ ମନ୍ଦିର ନଗରୀ ଭାବେ ବର୍ଣ୍ଣନା କରି ଏହାର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରିଥିଲେ। ସୋନପୁରର ବୁଣାକାରମାନେ ନିଜ ଦକ୍ଷତା ଦ୍ୱାରା ଓଡିଶାର ଗୌରବକୁ ଦେଶ ବିଦେଶରେ ପହଞ୍ଚାଇଛନ୍ତି। ସୋନପୁରରେ ଏମ୍ଏସ୍ଏମ୍ଇ ପାର୍କ ପ୍ରତିଷ୍ଠା ଜରିଆରେ ଶିଳ୍ପ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି। ତା’ସହିତ ଜଳସେଚନ ଓ ସ୍ୱାସ୍ଥ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ ନିଆଯାଉଛି। ଜିଲ୍ଲା ମୁଖ୍ୟାଳୟରେ ଏକ ହସ୍ପିଟାଲ ପ୍ରତିଷ୍ଠା କରାଯାଉଛି। ଏହାଦ୍ୱାରା ସ୍ୱାସ୍ଥ୍ୟ ସେବାରେ ଉନ୍ନତି ଆସିବ।
ବୌଦ୍ଧ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ ସହ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ବୌଦ୍ଧରେ ପର୍ଯ୍ୟଟନର ବିକାଶ ପାଇଁ ଥିବା ବିପୁଳ ସୁଯୋଗକୁ ଉପଯୋଗ କରାଯିବ। ଜିଲ୍ଲାରେ ୨୦ କୋଟି ଟଙ୍କା ବ୍ୟୟରେ ନନ୍ଦନବନ ସଫାରୀ କରାଯିବ। ଏହାଦ୍ୱାରା ଇକୋ-ଟୁରିଜିମ୍ର ବିକାଶ ସହିତ ଜିଲ୍ଲାର ୪୦୦ ପରିବାରକୁ ରୋଜଗାର ମିଳିବ। ସେହିପରି ୪ କୋଟି ଟଙ୍କାରେ ୩୭ଟି ପର୍ଯ୍ୟଟନ ସ୍ଥଳୀର ବିକାଶ କରାଯିବ। ଆଗାମୀ ଏକ ବର୍ଷରେ ୨୦ ହଜାର ଲିଟର କ୍ଷମତା ବିଶିଷ୍ଟ ଏକ ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟ୍ ନିର୍ମାଣ କରାଯିବ। ଏହାଦ୍ୱାରା ୧୦ ହଜାର ଚାଷୀ ଏଥିରେ ରୋଜଗାର ପାଇପାରିବେ ବୋଲି ସେ କହିଥିଲେ।