୫ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଆସନ୍ତା ସେପ୍ଟେମ୍ବର ୫ ତାରିଖରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏନେଇ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଆଜିର ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରବାସୀ ଶ୍ରମିକ ସମସ୍ୟା, ବିଭିନ୍ନ ଦୁର୍ନୀତି, ସାମ୍ପ୍ରତିକ ବନ୍ୟା ପରିସ୍ଥିତି, କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର କାର୍ଯ୍ୟକାରିତା ଆଦି ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇ ପ୍ରସ୍ତାବ ଗୃହୀତ ହୋଇଛି। ଆଗାମୀ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏ ସମସ୍ତ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ। କୋଭିଡ-୧୯ କଟକଣା ଓ ନିୟମକୁ ପାଳନ କରାଯାଇ ଭର୍ଚୁଆଲ ମିଟିଂ ମାଧ୍ୟମରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଯୋଗ ଦେବେ। ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସମ୍ପାଦକ (ସଂଗଠନ) ସୌଦାନ ସିଂ, ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ରାଜ୍ୟ ପ୍ରଭାରୀ ଅରୁଣ ସିଂ, ରାଷ୍ଟ୍ରୀୟ ସମ୍ପାଦକ ଓ ସାଂସଦ ସୁରେଶ ପୂଜାରୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗଦେବେ। ବୈଠକ ପୂର୍ବାହ୍ଣ ୧୦ଟାରେ ଆରମ୍ଭ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲୁ ରହିବ। ସୂଚନାଯୋଗ୍ୟ ଯେ ଆଜିର ବୈଠକରେ ଏହି ବୈଠକରେ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ରବି ନାଏକ, ଡ.ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ସମସ୍ତ ରାଜ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।