ପୁରୀ,ଏନ୍ଏନ୍ଏସ୍: ଆଜି ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଇଥାଏ। ଏହି ପବିତ୍ର ଜନ୍ମୋତ୍ସଵ ବିଧି ବିଧାନର ସହ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥାଏ। ଭୋଗମଣ୍ଡପ ବଢିବା ପରେ ଶ୍ରୀଜୀଉମାନଙ୍କର ମଇଲମ ହୋଇ ମହାସ୍ନାନ ବଢିଥାଏ। ଶ୍ରୀବିଗ୍ରହମାନଙ୍କୁ ତିନିଗୋଟି ଆଜ୍ଞାମାଳ, ଚାରିଖଣ୍ଡ ପାଟ ରାକ୍ଷୀ ଓ ଗୁଆର ମାଳି ଲାଗି କରାଯାଏ।
ବଳଭଦ୍ରଙ୍କ ସମ୍ମୁଖରେ କଳସ ସ୍ଥାପନ କରାଯାଇ ଷଷ୍ଠିଦେବୀଙ୍କୁ ରଖାଯାଇ ପୂଜାବିଧି ତୀଥି, ରାଶି, ନକ୍ଷେତ୍ର ଅନୁଯାୟୀ ହୋଇଥାଏ। ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ଚଉଦୋଳରେ ନେଇ ମାର୍କଣ୍ଡେୟ ପୁଷ୍କରିଣୀକୁ ଯାଇଥାନ୍ତି ଓ ସେଠାରେ ଥିବା ଚକଡ଼ା ଉପରେ ବିଜେ କରିଥାନ୍ତି। ଚକଡ଼ା ଉପରେ ଥିବା ଗୋଲ ଚକା ଉପରେ କୁମ୍ଭାର ବିଶୋଇ ଦେଇଥିବା ଚିକିଟା ମାଟିରେ ସୁଦୁସୁଆର ସେବକମାନେ ବଳଭଦ୍ରଙ୍କ ମୂର୍ତ୍ତି ନିର୍ମାଣ କରିଥାନ୍ତି।
ମୁଦିରସ୍ତ ପ୍ରସାଦ ଲାଗି ଓ ପୂଜାପଣ୍ଡା ପଞ୍ଚଉପଚାରରେ ଶୀତଳ ଭୋଗ ମଣୋହି କରିଥାନ୍ତି। ଏହାପରେ ପୂଜାପଣ୍ଡା ସାମନ୍ତ ମାଟି ମୂର୍ତ୍ତିଙ୍କ ଜୀବନ୍ୟାସ ମନ୍ତ୍ରପାଠ ଓ ଜାତକର୍ମ ନୀତି ସଂପନ୍ନ ହେବା ପରେ ମୂର୍ତ୍ତିଙ୍କୁ ମାର୍କଣ୍ଡେୟ ପୁଷ୍କରିଣୀରେ ବିସର୍ଜନ କରିଥାନ୍ତି। ବଳଭଦ୍ରଙ୍କ ଜନ୍ମ ନୀତି ସମ୍ପନ୍ନ ପରେ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରି ଶ୍ରୀମନ୍ଦିର ବାହୁଡା ବିଜେ କରିଥାନ୍ତି।