ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨ ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିଥିବା ବେଳେ ରବିବାର ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୩ଟି ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରବିବାର ମାଲକାନଗିରି, ନବରଙ୍ଗପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ନୂଆପଡ଼ା, ସୋନପୁର, ବଲାଙ୍ଗିର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼ ଏବଂ ନବରଙ୍ଗପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି। ସୋମବାର ସମ୍ବଲପୁର, ଦେବଗଡ଼, ବରଗଡ଼, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହୋଇପାରେ। ତେବେ ଏହି ସମୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ଥାନେସ୍ଥାନେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ମଙ୍ଗଳବାର ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ ରାୟଗଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପାଞ୍ଚ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।